କୋଭିଡ଼ ଯୋଦ୍ଧାଙ୍କୁ ସମର୍ଥନ ଓ ସମ୍ମାନ ଆମ ସମସ୍ତଙ୍କର କର୍ତ୍ତବ୍ୟ, ଏଥିଲାଗି ଶନିବାର ୫.୩୦ଟାରେ ‘ବନ୍ଦେ ଉତ୍କଳ ଜନନୀ’ ଗାନ କରିବାକୁ ଆହ୍ୱାନ ଦେଲେ ମୁଖ୍ୟମନ୍ତ୍ରୀ

Published By : Prameya-News7 Bureau | May 28, 2020 IST

ଭୁବନେଶ୍ୱର ୨୮।୦୫: କୋଭିଡ ଯୋଦ୍ଧାଙ୍କୁ ଉତ୍ସାହିତ କରିବା ପାଇଁ  ରାଜ୍ୟବାସୀଙ୍କୁ ଆହ୍ବାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । କୋଭିଡ ଯୋଦ୍ଧାଙ୍କ  ସେବା, ତ୍ୟାଗ ଓ ସାହାସକୁ ପ୍ରଶଂସା କରି ସେମାନଙ୍କୁ ଉତ୍ସାହିତ କରିବା ଏବଂ ସମର୍ଥନ କରିବା ଏବେର ଅସାଧରଣ ପରିସ୍ଥିତିରେ ଆମ ସମସ୍ତଙ୍କର କର୍ତ୍ତବ୍ୟ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ଏଥିଲାଗି  ଶନିବାର ୫ଟା ୩୦ରେ ବନ୍ଦେ ଉତ୍କଳ ଜନନୀ ଗାନ କରିବାକୁ ଓଡିଶାବାସୀଙ୍କୁ ଆହ୍ବାନ କରିଛନ୍ତି ନବୀନ ପଟ୍ଟନାୟକ  । ଗୁରୁବାର ଅପରାହ୍ନ ୨ଟାରେ ଏକ ଭିଡିଓ ବାର୍ତ୍ତାରେ ଏହି ଆହ୍ୱାନ ଦେଇଥିବା ମୁଖ୍ୟମନ୍ତ୍ରୀ  ରାଜ୍ୟ ସଂଗୀତ ଗାନ ବେଳେ ସାମାଜିକ ଦୂରତା ରକ୍ଷା କରିବାକୁ ପରାମର୍ଶ ମଧ୍ୟ ଦେଇଛନ୍ତି ।  

ମୁଖ୍ୟମନ୍ତ୍ରୀ କହିଛନ୍ତି ,  ଦୁଇ ମାସ ଧରି ସାରା ଦୁନିଆ ଏକ ବହୁତ ବଡ ଜଟିଳ ପରିସ୍ଥିତିର ସାମ୍‌ନା କରୁଛି । ବଡ ବଡ ଧନୀ ଦେଶ, ଶକ୍ତିଶାଳୀ ଦେଶରେ ବି କୋଭିଡ ଆତଙ୍କ ସୃଷ୍ଟି କରିଛି । ସେହି ଏକା ସମୟରେ ଆମ ଓଡିଶା ବି କୋଭିଡ ବିରୁଦ୍ଧରେ ତାର ଯୁଦ୍ଧ ଆରମ୍ଭ କଲା । କୋଭିଡରୁ ଲୋକଙ୍କୁ ରକ୍ଷା କରିବା ଏବଂ ଲୋକଙ୍କ ଜୀବନ ବଞ୍ଚାଇବା ସେତେବେଳେ ମୋ ସରକାରଙ୍କ ପ୍ରାଥମିକତା ଥିଲା । ପ୍ରତିଟି ଜୀବନର ସୁରକ୍ଷା ହେଉଛି ମୋ ପାଇଁ ସବୁଠାରୁ ଗୁରୁତ୍ବପୂର୍ଣ୍ଣ । ସେତେବେଳେ ଆମେ ଯାହା ବି ନୀତି, ଯାହା ବି ପଦକ୍ଷେପ ଗ୍ରହଣ କରିଥିଲୁ, ତାର ଏକମାତ୍ର ଲକ୍ଷ୍ୟ ଥିଲା ମୋର ପ୍ରିୟ ସାଢେ ଚାରି କୋଟି ଓଡିଶାବାସୀଙ୍କ ଜୀବନ ରକ୍ଷା କରିବା । ଏବେ ଦୁଇ ମାସରୁ ଅଧିକ ସମୟ ହୋଇଗଲାଣି । କୋଭିଡ ଯୁଦ୍ଧରେ ଲୋକଙ୍କ ଜୀବନ ବଞ୍ଚାଇବାରେ ଓଡିଶା ଆଜିକା ଦିନରେ କେବଳ ଭାରତବର୍ଷରେ ନୁହେଁ, ସାରା ବିଶ୍ବରେ ଏକ ଉଦାହରଣ ସୃଷ୍ଟି କରିପାରିଛି। କୋଭିଡରେ ଓଡିଶାର ମୃତ୍ୟୁହାର ସାରା ଦୁନିଆରେ ସବୁଠାରୁ କମ୍‌ । କରୋନା ପୀଡିତ ମାନଙ୍କ ମଧ୍ୟରୁ ଅଧାରୁ ଅଧିକ ଲୋକ ସୁସ୍ଥ ହୋଇ ଘରକୁ ଫେରିଲେଣି  ।  ଓଡିଶା ପରି ଗୋଟିଏ ରାଜ୍ୟ ତଥା ଆମ ଓଡିଶାବାସୀଙ୍କ ପାଇଁ ଏହା ଏକ ବଡ ସଫଳତା ।

ଦୁନିଆର ଶକ୍ତିଶାଳୀ ଦେଶ ତଥା ଭାରତର ବଡ ବଡ ରାଜ୍ୟ, ଧନୀ ରାଜ୍ୟମାନେ ମଧ୍ୟ କରୋନା ଯୁଦ୍ଧରେ ଏତେ ସଫଳତା ପାଇପାରି ନାହାନ୍ତି । ଆଜିକା ଦିନରେ ଓଡିଆ ଜାତି ପାଇଁ ଏହା ଏକ ଅଭୂତପୂର୍ବ ସଫଳତା ।  ଏହି ସମୟରେ ପ୍ରବାସରେ ଥିବା ଲକ୍ଷ ଲକ୍ଷ ଓଡିଆ ଭାଇଭଉଣୀ ଘରକୁ ଫେରିଛନ୍ତି।  ତଥାପି କୋଭିଡ ବିରୁଦ୍ଧରେ ଚାଲିଥିବା ସଂଗ୍ରାମରେ ଆମେ ଭଲ ସ୍ଥିତିରେ ଅଛୁ । ଏହା ପଛରେ ରହିଛି କରୋନା ଯୁଦ୍ଧରେ ଦିନରାତି କାମ କରୁଥିବା ଆମର ଲକ୍ଷ ଲକ୍ଷ କୋଭିଡ ଯୋଦ୍ଧାମାନଙ୍କ ତ୍ୟାଗ, ନିଷ୍ଠା ଓ ପ୍ରତିବଦ୍ଧତା । ସିଏ ଯିଏ ବି ହୁଅନ୍ତୁ – ଲୋକ ପ୍ରତିନିଧି, ସରକାରୀ ବା ବେସରକାରୀ କର୍ମଚାରୀ; ସମସ୍ତେ ନିଜ ନିଜର ସୁଖଦୁଃଖକୁ ପଛରେ ପକାଇ ଯେଭଳି ସେବା ଯୋଗାଇ ଚାଲିଛନ୍ତି, ତାର ତୁଳନା ନାହିଁ । ସେହିପରି ଏହି ଯୁଦ୍ଧରେ ସାରା ଓଡିଶାବାସୀ ସରକାରଙ୍କ ପଦକ୍ଷେପକୁ ଯେଭଳି ବିପୁଳ ସମର୍ଥନ ଦେଇଛନ୍ତି, ସେଥିପାଇଁ ମୁଁ ସମସ୍ତଙ୍କ ନିକଟରେ ଋଣୀ । ଏହାସହିତ ମହାପ୍ରଭୂଙ୍କ ଆଶୀର୍ବାଦ ମଧ୍ୟ ସବୁବେଳେ ଆମ ସଥିରେ ରହିଛି।

ଏହି ପରିପ୍ରେକ୍ଷୀରେ ଓଡିଶା ମାଟି ସହ ସଂପର୍କ ଥିବା ସମସ୍ତଙ୍କୁ, ଆମର ସାଢେ ଚାରି କୋଟି ଓଡିଆ ଭାଇଭଉଣୀଙ୍କୁ ମୁଁ ଅନୁରୋଧ କରୁଛି ଯେ,  ମଇ ୩୦ ତାରିଖ ଶନିବାର ଦିନ ସଂଧ୍ୟା ୫ଟା ୩୦ ସମୟରେ ଆପଣମାନେ ଦୁନିଆରେ ଯେଉଁଠାରେ ବି ଥାଆନ୍ତୁ, ସମସ୍ତେ ସାମାଜିକ ଦୂରତା ରକ୍ଷା କରି ବନ୍ଦେ ଉତ୍କଳ ଜନନୀ ସଂଗୀତ ଗାନ କରନ୍ତୁ । ଏହାର ଉଦ୍ଦେଶ୍ୟ ହେଉଛି ଆମର କୋଭିଡ ଯୋଦ୍ଧା ମାନଙ୍କୁ ଉତ୍ସାହିତ କରିବା । ସେମାନଙ୍କ ତ୍ୟାଗକୁ ସମ୍ମାନ ଜଣାଇବା।
ଆମର ସଂକଳ୍ପକୁ ଆହୁରି ଦୃଢ କରିବା ପାଇଁ ଏହା ପ୍ରେରଣା ଯୋଗାଇବ । ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନ ଦାବୀ ସମୟରେ ଉତ୍କଳ ସମ୍ମିଳନୀର ଆଦ୍ୟ ସଂଗୀତ ଥିଲା ବନ୍ଦେ ଉତ୍କଳ ଜନନୀ । ଓଡିଆ ଜାତୀୟତାର ବନ୍ଧନକୁ ଏହା ମଜବୁତ କରିଥିଲା । ବର୍ତ୍ ମାନ ସମୟରେ ଏହା ଓଡିଆ ଜାତିକୁ, ଆମ ସମସ୍ତଙ୍କୁ ଅଭୂତପୂର୍ବ ପ୍ରେରଣା ଯୋଗାଇବ।  ଆଗକୁ ଆମ ପାଇଁ ଆହୁରି କଠିନ ରାସ୍ତା ଆସିପାରେ । ଆଗାମୀ ଦିନର ଆହ୍ବାନକୁ ସଫଳ ଭାବରେ ମୁକାବିଲା କରିବା ଏବଂ ନୂଆ ସଂକଳ୍ପ ନେଇ କାମ କରିବା ପାଇଁ ଏହା ଆମକୁ ଶକ୍ତି ଯୋଗାଇବ। ଏ ବିଶ୍ବାସ ମୋର ଅଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.