ଅବପାତରେ ପରିଣତ ହେଲା ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ, ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା
7/08/2019 at 9:36 AM

ଭୁବନେଶ୍ବର ୭|୮: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତରେ ପରିଣତ ହୋଇଛି । ଯାହାର ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହା ସହିତ ବନ୍ୟା ପରିସ୍ଥିତି ମଧ୍ୟ ସୃଷ୍ଟି ହେବାର ଆଶଙ୍କା ରହିଛି । ଏଥିସହ ଆସନ୍ତା ୪୮ଘଣ୍ଟା ମଧ୍ୟରେ ଏହା ପଶ୍ଚିମ ଓ ଉତ୍ତର ପଶ୍ଚିମ ଦିଗରେ ଗତି କରି ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଛୁଇଁବ ବୋଲି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ।
ପ୍ରଭାବରେ ଆସନ୍ତା ୨୪ଘଣ୍ଟା ପର୍ଯ୍ୟନ୍ତ ଦକ୍ଷିଣ ଓ ଉତ୍ତର ଉପକୂଳ ଓଡ଼ିଶା ରେ ପ୍ରବଳ ବର୍ଷା ହେବ। ଅଧିକାଂଶ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାକୁ ଥିବା ବେଳେ କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷାର ଆଶଙ୍କା ରହିଛି। ସ୍ଥାନେ ସ୍ଥାନେ ଅତିରୁ ଅତିପ୍ରବଳ ବର୍ଷା ହେବ ବୋଲି ଆକଳନ କରାଯାଇଛି।
ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ୪ଦିନ ମଧ୍ୟରେ ଦ୍ୱିତୀୟଥର ପାଇଁ ସବୁ ଜିଲ୍ଲାରେ ଆଲର୍ଟ ଜାରି କରିଛନ୍ତି। ଏହା ସହିତ ୨୪ଘଣ୍ଟିଆ ଜରୁରୀକାଳୀନ କେନ୍ଦ୍ର ଖୋଲିବାକୁ ନିର୍ଦ୍ଦେଶ ଦିଆଯାଇଛି। କେବଳ ଏହି ୧୧ ଜିଲ୍ଲା ନୁହେଁ, ୮ ତାରିଖ ପୂର୍ବାହ୍ନ ପର୍ଯ୍ୟନ୍ତ ସାରା ରାଜ୍ୟରେ ବର୍ଷା ଲାଗି ରହିବ। ୭ ତାରିଖ ପୂର୍ବାହ୍ନ ମଧ୍ୟରେ ଗଜପତି, ବୌଦ୍ଧ, ସୋନପୁର, ସମ୍ବଲପୁର, ଦେବଗଡ଼, କଟକ, ଢେଙ୍କାନାଳ, ନୟାଗଡ଼ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ଓ ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ଖୋର୍ଦ୍ଧା, ଅନୁଗୋଳ, ରାୟଗଡ଼ା, ବାଲେଶ୍ବର, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାରେ ପ୍ରବଳ ବର୍ଷା ହେବ।
ଏହାର ପରବର୍ତୀ ୨୪ ଘଣ୍ଟା ମଧ୍ୟରେ ସୋନପୁର, ଝାରସୁଗୁଡ଼ା, ଅନୁଗୁଳ, ଢେଙ୍କାନାଳ, କଳାହାଣ୍ଡି, ବରଗଡ଼ ଓ ସୁନ୍ଦରଗଡ଼ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ୮ ତାରିଖଠାରୁ ବର୍ଷା ସାମାନ୍ୟ କମିବ। ତେବେ କଟକ, କେନ୍ଦ୍ରାପଡ଼ା, ବୌଦ୍ଧ, ନୟାଗଡ଼, ଖୋର୍ଦ୍ଧା, କେନ୍ଦୁଝର, ମୟୂରଭଞ୍ଜ, ନବରଙ୍ଗପୁର, ସୁନ୍ଦରଗଡ଼, ବରଗଡ଼, କୋରାପୁଟ ଓ କଳାହାଣ୍ଡିରେ ପ୍ରବଳ ବର୍ଷା ହେବ ବୋଲି ଆକଳନ କରିଛି ପାଣିପାଗ କେନ୍ଦ୍ର।