ଲଘୁଚାପର ରୂପ ନେଲା ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ : ୧୧ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ୱାର୍ଣ୍ଣିଂ ଜାରି

Published By : Prameya-News7 Bureau | August 25, 2019 IST

ଭୁବନେଶ୍ବର ୨୫/୮: ଉତ୍ତରପଶ୍ଚିମ ବଙ୍ଗୋପସାଗର ତଥା ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଉପକୂଳ ଓଡ଼ିଶା ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହୋଇଛି । ଏହାଛଡ଼ା ଆସନ୍ତା ୨୮ତାରିଖରେ ଉତ୍ତର ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ଅଞ୍ଚଳରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଆସନ୍ତା ୨୪ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ଅନୁଗୋଳ, ଢ଼େଙ୍କାନାଳ ଏବଂ କଟକରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏସବୁ ଜିଲା ପାଇଁ ଅରେଞ୍ଜ ୱାର୍ନିଂ ଜାରି କରାଯାଇଛି ।

ଏହି ସମୟରେ ଯାଜପୁର, ଭଦ୍ରକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ଗଞ୍ଜାମ, କନ୍ଧମାଳ, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, କଳାହାଣ୍ଡି, କୋରାପୁଟ ଓ କେନ୍ଦ୍ରାପଡ଼ା ଆଦି ଜିଲାରେ ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ଏସବୁ ଜିଲା ପାଇଁ ୟେଲୋ ୱାର୍ନିଂ ଜାରି କରାଯାଇଛି । ପରବର୍ତ୍ତୀ ୨୪ଘଣ୍ଟାରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ସୋନପୁର, ବୌଦ୍ଧ ଓ ପୁରୀ ଆଦି ୯ଟି ଜିଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏଥିପାଇଁ ୟେଲୋ ୱାର୍ନିଂ ଜାରି କରାଯାଇଛି । ୨୬ତାରିଖରେ ବର୍ଷା ସାମାନ୍ୟ କମିଯିବାର ସମ୍ଭାବନା ଥିବାବେଳେ ୨୭ରେ ଅଧିକାଂଶ ସ୍ଥାନରେ ଘଡ଼ଘଡ଼ି ସହିତ ବର୍ଷା ହୋଇପାରେ ।

ତେବେ ୨୮ରେ ଉତ୍ତର ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଥିବାରୁ ବର୍ଷା ପ୍ରକୋପ ପୁଣି ବଢ଼ିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଜାରି ହୋଇଥିବା ସ୍ବତନ୍ତ୍ର ବୁଲେଟିନରେ କୁହାଯାଇଛି । ଲଘୁଚାପ ପ୍ରଭାବରେ ଓଡ଼ିଶା ଉପକୂଳ ଏବଂ ଏବଂ ପାର୍ଶ୍ବବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ୪୦ ରୁ ୫୦କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ଥିବାରୁ ସମୁଦ୍ର ଅଶାନ୍ତ ରହିପାରେ । ତେଣୁ ଆସନ୍ତା ୪୮ଘଣ୍ଟା ମଧ୍ୟରେ ମତ୍ସ୍ୟଜୀବୀ ସମୁଦ୍ରକୁ ନଯିବା ପାଇଁ ପାଣିପାଗ ବିଭାଗ ପକ୍ଷରୁ ସତର୍କ କରିଦିଆଯାଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.