ପ୍ରବଳ ବର୍ଷା ସମ୍ଭାବନା, କିଛି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

Published By : Prameya-News7 Bureau | July 04, 2020 IST

ଭୁବନେଶ୍ୱର ୦୪।୦୫: ଆଜି ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ନବରଙ୍ଗପୁର, ଗଜପତି, ଗଞ୍ଜାମ, କନ୍ଧମାଳ ଓ ଜଗତସିଂହପୁର ଜିଲ୍ଳାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି । ତେଣୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ବଲାଙ୍ଗୀର, ସୋନପୁର, ବୌଦ୍ଧ, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ନୟାଗଡ଼ ଓ ଖୋର୍ଦ୍ଧା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବ । ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶା ସମେତ ରାଜ୍ୟର ଅନ୍ୟ ସ୍ଥାନଗୁଡିକରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି କେନ୍ଦ୍ର ଆକଳନ କରିଛି । ଅପରପକ୍ଷେ ଆସନ୍ତା ୫ ତାରିଖରୁ ବର୍ଷା ଆହୁରି ବଢ଼ିବ ବୋଲି ଭାରତୀୟ ପାଣିପାଗ ବିଭାଗ ବା ଆଇଏମଡି ପୂର୍ବାନୁମାନ କରିଛି ।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଏଚ୍‌ ଆର୍‌ ବିଶ୍ୱାସ ପୂର୍ବାନୁମାନ କରିଛନ୍ତି, ଆସନ୍ତାକାଲି ଦକ୍ଷିଣ ଓଡ଼ିଶାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ । ୫ରୁ ରାଜ୍ୟ ବ୍ୟାପୀ ବର୍ଷା ହେବା ସହିତ ବଢ଼ିବ ବୋଲି ସେ ଆକଳନ କରିଛନ୍ତି । ମୌସୁମୀ ଉତ୍ତର ଆଡ଼କୁ ମୁହାଁଇଥିବା ବେଳେ ରାଜ୍ୟରେ ବର୍ଷା କମିଥିଲା । ଏବେ ପୁଣି ସ୍ୱାଭାବିକ ଅବସ୍ଥାକୁ ଫେରିଥିବାରୁ ବର୍ଷା ବଢ଼ିବ ବୋଲି ଶ୍ରୀ ବିଶ୍ୱାସ ପୂର୍ବାନୁମାନ କରିଛନ୍ତି । ସେହିପରି ସୋଆ ଜଳବାୟୁ ଓ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଡ. ଶରତ ଚନ୍ଦ୍ର ସାହୁ ପୂର୍ବାନୁମାନ କରିଛନ୍ତି, ରାଜ୍ୟର କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । କାଁ ଭାଁ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ସେ ଆକଳନ କରିଛନ୍ତି । ଶନିବାର ସକାଳରୁ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ହେବ ବୋଲି ଡ. ସାହୁ ପୂର୍ବାନୁମାନ କରିଛନ୍ତି ।

ଗତ ୨୪ ଘଣ୍ଟାରେ ମାଲକାନଗିରିରେ ୩୭ ମିଲିମିଟର ବର୍ଷା ହୋଇଥିବା ବେଳେ ପାରଳାଖେମୁଣ୍ଡିରେ ୫, କେନ୍ଦୁଝରରେ ୨ ମିଲିମିଟର ବର୍ଷା ହୋଇଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ରେକର୍ଡ଼ କରିଛି । ସେହିପରି ଆଜି ଅପରାହ୍ନ ୫ଟା ୩୦ ସୁଦ୍ଧା ରାୟଗଡ଼ାରେ ମାତ୍ର ୫ ମିଲିମିଟର ବର୍ଷା ହୋଇଥିବା ରେକର୍ଡ଼ କରାଯାଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.