ଲଘୁଚାପ ପ୍ରଭାବ : ମଙ୍ଗଳବାର ଯାଏଁ ପ୍ରବଳ ବର୍ଷା, ୫୦ କିମି ବେଗରେ ବହିବ ପବନ

Published By : Prameya-News7 Bureau | October 19, 2021 IST

ଭୁବନେଶ୍ୱର ୧୯/୧୦: ପଶ୍ଚିମବଙ୍ଗ ଓ ଉତ୍ତର ଓଡ଼ିଶା ସଂଲଗ୍ନ ଅଞ୍ଚଳ ଉପରେ ଆଉ ଏକ ଲଘୁଚାପ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଆସନ୍ତା ୪୮ ଘଣ୍ଟାରେ ଓଡ଼ିଶା ଉପକୂଳବର୍ତ୍ତୀ ବଙ୍ଗୋପସାଗରର ଉତ୍ତର ଉପକୂଳରେ ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବ । ଏହି ଲଘୁଚାପ ଯୋଗୁ ମଙ୍ଗଳବାର ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ଆସନ୍ତା ବୁଧବାର ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱରରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଉତ୍ତର ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ବିଭାଗ ପକ୍ଷରୁ କୁହାଯାଇଛି । ଏଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେପଟେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଅନୁଗୁଳ, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି ଓ ଢେଙ୍କାନାଳରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ।

ବୁଧବାର ଓ ଗୁରୁବାର ମଧ୍ୟ କିଛି କିଛି ସ୍ଥାନରେ ବର୍ଷା ହୋଇପାରେ । ବୁଧବାର କେନ୍ଦୁଝର, ମୟୂରଭଞ୍ଜ ଓ ଆଉ କିଛି ସ୍ଥାନରେ ବର୍ଷା ହେବ । ଗୁରୁବାର ଗଜପତି, ଗଞ୍ଜାମ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ ଓ ବାଲେଶ୍ୱରରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ କହିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.