୨୪ ଘଣ୍ଟା ମଧ୍ୟରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତ ରୂପ ନେବ ଲଘୁଚାପ, ୧୧ରୁ ବଢ଼ିବ ବର୍ଷା: ଜିଲ୍ଲାପାଳଙ୍କୁ ପ୍ରସ୍ତୁତ ହେବାକୁ ଏସ୍‌ଆର୍‌ସିଙ୍କ ନିର୍ଦ୍ଦେଶ

Published By : Prameya-News7 Bureau | October 09, 2020 IST

ଭୁବନେଶ୍ୱର,୦୯/୧୦: ଆଜି ଉତ୍ତର ଆଣ୍ଡାମାନ ଓ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ହେବାର ସମ୍ଭାବନା ରହିଛି। ଯାହା ୨୪ ଘଣ୍ଟା ମଧ୍ୟରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତରେ ପରିଣତ ହେବ। ପରେ ଏହା ପଶ୍ଚିମ ଓ ଦକ୍ଷିଣ ପଶ୍ଚିମ ଦିଗରେ ଗତି କରିବ। ଉତ୍ତର ଆନ୍ଧ୍ରପ୍ରଦେଶ ଓ ସଂଲଗ୍ନ ଦକ୍ଷିଣ ଓଡ଼ିଶା ଦେଇ ଯିବ । ୧୧ ତାରିଖ ଅପରାହ୍‌ଣ ସୁଦ୍ଧା ଏହା ଅବପାତରେ ପରିଣତ ହେବା ସହିତ ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ତେଣୁ ଜିଲ୍ଲାପାଳମାନଙ୍କୁ ପ୍ରସ୍ତୁତ ହେବାକୁ ସ୍ୱତନ୍ତ୍ର ରିଲିଫ୍‌ କମିଶନର ପ୍ରଦୀପ ଜେନା ଆଜି ଚିଠି ଲେଖିଛନ୍ତି ।

ସେହିପରି ଗଭୀର କେନ୍ଦ୍ରୀୟ ବଙ୍ଗୋପସାଗରକୁ ଯିବାକୁ ଧୀବରମାନଙ୍କୁ ବାରଣ କରାଯାଇଛି। ଯେଉଁମାନେ ଯାଇଛନ୍ତି, ସେମାନଙ୍କୁ ୧୦ ତାରିଖ ସୁଦ୍ଧା କୂଳକୁ ଫେରି ଆସିବାକୁ ପରାମର୍ଶ ଦିଆଯାଇଛି । ୧୩ ତାରିଖ ପର୍ଯ୍ୟନ୍ତ ସମୂଦ୍ର ଭିତରକୁ ନ ଯିବାକୁ ଭାରତୀୟ ପାଣିପାଗ ବିଭାଗ(ଆଇଏମଡି) ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ଶୁକ୍ରବାର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, ଗଞ୍ଜାମ, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାର କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ୧୧ରୁ ଗଜପତି, ଗଞ୍ଜାମ, କୋରାପୁଟ ଓ ରାୟଗଡ଼ା ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ମାଲକାନଗିରି, କନ୍ଧମାଳ, ପୁରୀ, ଜଗତସିଂହପୁର, ଖୋର୍ଦ୍ଧା ଓ ନବରଙ୍ଗପୁରରେ ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ଦକ୍ଷିଣ ଉପକୂଳ ଓଡ଼ିଶାରେ ୪୫ରୁ ୫୫ କିଲୋମିଟର ବେଗରେ ପବନ ବୋହିବ ବୋଲି କେନ୍ଦ୍ର ନିର୍ଦ୍ଦେଶକ ଏଚ୍‌. ଆର୍‌ ବିଶ୍ୱାସ ଆକଳନ କରିଛନ୍ତି ।

ସୋଆ ଜଳବାୟୁ ଓ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଡ. ଶରତ ଚନ୍ଦ୍ର ସାହୁ ପୂର୍ବାନୁମାନ କରିଛନ୍ତି, ଆସନ୍ତାକାଲି ରାଜ୍ୟର କିଛି ସ୍ଥାନରେ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା ହେବ। ଲଘୁଚାପର ପ୍ରଭାବରେ ୧୧ରୁ ଦକ୍ଷିଣ ଓଡ଼ିଶାରେ ବର୍ଷା ବଢ଼ିବ ବୋଲି ଡ. ସାହୁ ଅନୁରୁପ ଆକଳନ କରିଛନ୍ତି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.