SCBରେ ପ୍ରତିଷ୍ଠା ହେବ ୫୦୦ ଶଯ୍ୟା ବିଶିଷ୍ଟ ଟ୍ରମା ସେଣ୍ଟର, ଦୁର୍ଘଟଣାଗ୍ରସ୍ତ ଲୋକଙ୍କୁ ତୁରନ୍ତ ମିଳିବ ଉନ୍ନତ ଚିକିତ୍ସା

Published By : Prameya-News7 Bureau | February 04, 2025 IST

ଭୁବନେଶ୍ବର ୪: କଟକ ଏସ୍‌ସିବିରେ ପ୍ରତିଷ୍ଠା ହେବ ୫୦୦ ଶଯ୍ୟା ବିଶିଷ୍ଟ ଟ୍ରମା ସେଣ୍ଟର । ଦୁର୍ଘଟଣାଗ୍ରସ୍ତ ଲୋକଙ୍କୁ ମିଳିବ ତୁରନ୍ତ ଉନ୍ନତ ଚିକିତ୍ସା । ଏ ନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ତରଫରୁ ସୋସିଆଲ ମିଡ଼ିଆ ପ୍ଲାଟଫର୍ମ ‘ଏକ୍ସ’ରେ ସୂଚନା ପ୍ରଦାନ କରାଯାଇଛି । 

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ତରଫରୁ ‘ଏକ୍ସ’ରେ ଲେଖାଯାଇଛି ଯେ, ଲୋକଙ୍କ ସ୍ୱାସ୍ଥ୍ୟ ସୁରକ୍ଷା ପାଇଁ ପ୍ରତିବଦ୍ଧ ଲୋକଙ୍କ ସରକାର । କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡ଼ିକାଲ କଲେଜ ଓ ହସ୍ପିଟାଲରେ ପ୍ରତିଷ୍ଠା ହେବ ୫୦୦ ଶଯ୍ୟା ବିଶିଷ୍ଟ ଟ୍ରମା ସେଣ୍ଟର । ଏହାଦ୍ବାରା ବିଭିନ୍ନ ଦୁର୍ଘଟଣାଗ୍ରସ୍ତ ଲୋକଙ୍କୁ ମିଳିବ ତୁରନ୍ତ ଉନ୍ନତ ଚିକିତ୍ସା । ଏ ସମ୍ପର୍କିତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଅନୁମୋଦନ ଦେଇଛନ୍ତି ।



କଟକ SCBରେ ଏହି ଟ୍ରମା ସେଣ୍ଟର ପ୍ରତିଷ୍ଠା କରିବା ପାଇଁ ମୁଖ୍ୟମନ୍ତ୍ରୀ ୨୦୨୪ ଜୁଲାଇ ୨ ତାରିଖରେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଶ୍ରୀ ଜେ.ପି. ନଡ୍ଡାଙ୍କ ନିକଟକୁ ପତ୍ର ଲେଖି ଅନୁରୋଧ କରିଥିଲେ । କେନ୍ଦ୍ର ସରକାର ଏହାକୁ ନୀତିଗତ ଅନୁମୋଦନ ଦେବା ପରେ ଏବେ ଏହା ରାଜ୍ୟ ସରକାରଙ୍କ ଅନୁମୋଦନ ମଧ୍ୟ ହାସଲ କରିଛି । ଏହାପରେ ଏହାର ବିସ୍ତୃତ ପ୍ରକଳ୍ପ ରିପୋର୍ଟ ପ୍ରସ୍ତୁତ କରାଯିବ ଏବଂ ପ୍ରକଳ୍ପ ପ୍ରତିଷ୍ଠା ପାଇଁ ପଦକ୍ଷେପ ନିଆଯିବ ।

ଏହି ଟ୍ରମା ସେଣ୍ଟରଟି କେନ୍ଦ୍ର ସରକାରଙ୍କ 'ପ୍ରଧାନମନ୍ତ୍ରୀ ସ୍ବାସ୍ଥ୍ୟ ସୁରକ୍ଷା ଯୋଜନା'ରେ କାର୍ଯ୍ୟକାରୀ କରାଯିବ । ଏଥିପାଇଁ କେନ୍ଦ୍ର ସରକାର ୬୦ ପ୍ରତିଶତ ଅର୍ଥ ବିନିଯୋଗ କରିବା ବେଳେ ରାଜ୍ୟ ସରକାର ୪୦ପ୍ରତିଶତ ଅର୍ଥ ବିନିଯୋଗ କରିବେ ।

You Can Read:

ଅଗ୍ନିଶମ କର୍ମଚାରୀଙ୍କ ସାମାଜିକ ସୁରକ୍ଷା ଦିଗରେ ବଳିଷ୍ଠ ପଦକ୍ଷେପ, ଘରଭଡ଼ା ପ୍ରଦାନ କରାଯିବ ସହ ଭତ୍ତା ବୃଦ୍ଧି

  • odisha
  • OdishaNews
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.