ଭୁବନେଶ୍ବର: ଗାଙ୍ଗେୟ ପଶ୍ଚିମବଙ୍ଗ ଓ ଉତ୍ତର ଉପକୂଳ ଓଡ଼ିଶା ଏବଂ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସ୍ପଷ୍ଟ ଚିହ୍ନିତ ହୋଇଛି ଲଘୁଚାପ କ୍ଷେତ୍ର। ଏହା ସହିତ ଜଡ଼ିତ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ୭.୬ କିଲୋମିଟର ଉଚ୍ଚତା ପର୍ଯ୍ୟନ୍ତ ବ୍ୟାପିଥିବା ବେଳେ ଉଚ୍ଚତା ସହିତ ଦକ୍ଷିଣ- ପଶ୍ଚିମ ଦିଗକୁ ଢଳି ରହିଛି। ଯାହା ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉତ୍ତର ଓଡ଼ିଶା ଗାଙ୍ଗେୟ ପଶ୍ଚିମବଙ୍ଗ ଦେଇ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବାର ସମ୍ଭାବନା ରହିଛି। ଫଳରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଆସନ୍ତା ୨୪ ଘଣ୍ଟା ପାଇଁ ସୁନ୍ଦରଗଡ଼ ଏବଂ କେନ୍ଦୁଝର ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି କରାଯାଇଛି।

ସେହିଭଳି ୬ ଜିଲ୍ଲା- ଝାରସୁଗୁଡ଼ା, ବରଗଡ଼, ସମ୍ୱଲପୁର, ଦେବଗଡ଼, ଅନୁଗୁଳ, ମୟୂରଭଞ୍ଜ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଆହୁରି ମଧ୍ୟ ସେହିପରି ବାଲେଶ୍ବର, ଭଦ୍ରକ, ଯାଜପୁର, ଢେଙ୍କାନାଳ, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, କଟକ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଏସବୁ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ୪୦ରୁ ୫୦ କିମି ଝଟକା ପବନର ସମ୍ଭାବନା ବି ରହିଛି। ଅବଶିଷ୍ଟ ୧୦ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ୩୦ରୁ ୪୦ କିମି ପବନ ବହିବାର ସମ୍ଭାବନା ଥିବା ବେଳେ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

Also Read: ସ୍କ୍ରବ୍ ଟାଇଫସ୍‌କୁ ନେଇ ସ୍ବାସ୍ଥ୍ୟ ବିଭାଗର ପରାମର୍ଶ, ଏମିତି କଲେ ବର୍ତ୍ତିହେବ...

ସେପଟେ ଏହି ଅବଧି ମଧ୍ୟରେ ଓଡ଼ିଶା ଉପକୂଳରେ ୪୦ରୁ ୫୦ ସର୍ବାଧିକ ୬୦ କିମି ବେଗରେ ପବନ ବହିବାର ସମ୍ଭାବନା ଥିବା ବେଳେ ସମୁଦ୍ର ଅଶାନ୍ତ ରହିଵ । ତେଣୁ ୩୧ ତାରିଖ ଯାଏ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବାକୁ ବାରଣ କରାଯାଇଛି । ଅବଶ୍ୟ ମଙ୍ଗଳବାର ଠାରୁ ବର୍ଷା ପରିମାଣ କମିବ ତଥାପି କେବଳ ବରଗଡ଼ ଜିଲ୍ଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଆଲର୍ଟ ଜାରି ହୋଇଥିବା ବେଳେ ୬ ଜିଲ୍ଲା ଅର୍ଥାତ୍ ସମ୍ବଲପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସୋନପୁର, ବଲାଙ୍ଗୀର, ନୂଆପଡ଼ାରେ ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ହୋଇଛି ୟେଲୋ ଆଲର୍ଟ।