ଭୁବନେଶ୍ୱର ୨୩।୮: ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଆଉ ଏକ ଲଘୁଚାପ । ଉତ୍ତର ବଙ୍ଗୋପସାଗର ଏବଂ ତା’ର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ରବିବାର ଭୋର ୫ଟା ୩୦ ମିନିଟ୍ରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଲଘୁଚାପ ପ୍ରଭାବରେ ଉତ୍ତର-ପଶ୍ଚିମ ଏବଂ ପାର୍ଶ୍ୱବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ସମେତ ପଶ୍ଚିମବଙ୍ଗ, ଓଡ଼ିଶା ଏବଂ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଝଡ଼ପବନ ସହ ବର୍ଷା ହେବାର ସମ୍ଭାବନା ରହିଛି ।

ସୋମବାର ପର୍ଯ୍ୟନ୍ତ ଏହିସବୁ ଅଞ୍ଚଳରେ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବ, ଯାହା ବୃଦ୍ଧି ପାଇ ଝଟ୍କା ପବନର ବେଗ ୬୦ କିଲୋମିଟର ପର୍ଯ୍ୟନ୍ତ ପହଞ୍ଚିପାରେ । ପବନର ବେଗ ଅଧିକ ରହିବା ଯୋଗୁଁ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଓଡ଼ିଶା ଉପକୂଳରେ ସମୁଦ୍ର ଅଶାନ୍ତରୁ ଅତି ଅଶାନ୍ତ ରହିବ ।

Also Read:- ଶତାବ୍ଦୀର ସବୁଠୁ ବିପଦଜନକ ଏଲ ନିନୋ ସତର୍କତା, ସାରା ବିଶ୍ୱରେ ବଢିବ ଗରମ, କୃଷି ସଂକଟର ସମ୍ମୁଖୀନ ହେବ ଭାରତ

ସମୁଦ୍ର ଅଶାନ୍ତ ରହିବାକୁ ଥିବାରୁ ମତ୍ସ୍ୟଜୀବୀ ମାନଙ୍କୁ ଆସନ୍ତା ୨୪ ଅଗଷ୍ଟ ପର୍ଯ୍ୟନ୍ତ ଉତ୍ତର-ପଶ୍ଚିମ ଓ ପାର୍ଶ୍ୱବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଓଡ଼ିଶା, ପଶ୍ଚିମବଙ୍ଗ ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳକୁ ନଯିବା ପାଇଁ ପରାମର୍ଶ ଦିଆଯାଇଛି । ଯେଉଁ ମତ୍ସ୍ୟଜୀବୀ ମାନେ ସମୁଦ୍ର ମଧ୍ୟରେ ଅଛନ୍ତି, ସେମାନଙ୍କୁ ତୁରନ୍ତ ଉପକୂଳକୁ ଫେରିଆସିବାକୁ କୁହାଯାଇଛି ।

ଲଘୁଚାପ ପ୍ରଭାବରେ ଓଡ଼ିଶାର ଉପକୂଳ ଓ ଆଭ୍ୟନ୍ତରୀଣ ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ପ୍ରଶାସନ ପକ୍ଷରୁ ସ୍ଥିତି ଉପରେ ନଜର ରଖାଯାଇଛି । ପ୍ରବଳ ବର୍ଷା ନେଇ ରାଜ୍ୟର ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ସୋମବାର ଉତ୍ତର ଓ ପଶ୍ଚିମ ଓଡ଼ିଶାର ଅଧିକାଂଶ ସ୍ଥାନରେ ବର୍ଷା ସମ୍ଭାବନା ଅଛି ।

Watch Video: