ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତରପଶ୍ଚିମ ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ ଏବଂ ଓଡ଼ିଶା ଉପକୂଳରେ ଏହି ଲଘୁଚାପ ସୃଷ୍ଟି ହୋଇଛି। ଆସନ୍ତା ୨୪ ଘଣ୍ଟାରେ ଏହା ଉତ୍ତର ଦିଗକୁ ଗତି କରିବା ସହ ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି।

ଲଘୁଚାପ ପ୍ରଭାବରେ ଓଡ଼ିଶାରେ ବର୍ଷାର ପ୍ରକୋପ ବଢ଼ିବା ଆଶଙ୍କା ରହିଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କିଛି ଅଞ୍ଚଳରେ ଅତ୍ୟନ୍ତ ପ୍ରବଳ ବର୍ଷା, ଅର୍ଥାତ୍ ୨୦ ସେଣ୍ଟିମିଟରରୁ ଅଧିକ ବର୍ଷା ହେବାର ସମ୍ଭାବନା ଥିବାରୁ ଓଡ଼ିଶା ପାଇଁ ରେଡ୍ ଆଲର୍ଟ ଜାରି କରାଯାଇଛି।

ବର୍ଷାର ପ୍ରଭାବରେ ତଳିଆ ଅଞ୍ଚଳରେ ଜଳବନ୍ଦୀ ସ୍ଥିତି ସୃଷ୍ଟି ହେବା ସହ ନଦୀନାଳର ଜଳସ୍ତର ବଢ଼ିପାରେ। ଏଥିସହ ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ ଏବଂ ଯୋଗାଯୋଗ ବ୍ୟାହତ ହେବାର ମଧ୍ୟ ଆଶଙ୍କା ରହିଛି।

ଲଘୁଚାପର ଗତିପଥ ଓ ଏହାର ପ୍ରଭାବ ଉପରେ ପାଣିପାଗ ବିଭାଗ ନଜର ରଖିଛି। ପ୍ରବଳ ବର୍ଷା ସମୟରେ ଲୋକଙ୍କୁ ସତର୍କ ରହିବା ସହ ଆବଶ୍ୟକ ନଥିଲେ ଘରୁ ବାହାରକୁ ନଯିବାକୁ ପରାମର୍ଶ ଦିଆଯାଇଛି।

Watch Video-