ଶ୍ରୀମନ୍ଦିରରେ ଚିତାଲାଗି ଅମାବାସ୍ୟା, ରତ୍ନ ଚିତା ଲାଗି ପରେ ମହାସ୍ନାନ କରିବେ ମହାପ୍ରଭୁ

Published By : Prameya-News7 Bureau | July 24, 2025 IST

ପୁରୀ ୨୪/୦୭: ଆଜି ଚିତାଲାଗି ଅମାବାସ୍ୟା। ଶ୍ରୀମନ୍ଦିରରେ ମହାପ୍ରଭୁ ଆଜି ଲାଗି ହେବେ ବ୍ରହ୍ମଜ୍ୟୋତି ହୀରା ଚିତା। ପତିମହାପାତ୍ର ସେବାୟତ ସଂସ୍କାର କରିବା ପରେ ତିନି ବାଡର ବାଡ଼ଗ୍ରାହୀ ଦଇତାପତି ଓ ଅନ୍ୟାନ୍ୟ ଦଇତାପତି ସେବକ ମାନେ ମାନେ ମହାପ୍ରଭୁଙ୍କୁ ଏହି ଅଳଙ୍କାର ଲାଗି କରିବେ। 

ଶ୍ରୀଜଗନ୍ନାଥଙ୍କୁ ସୁଭ୍ର ହୀରା ଖଚିତ ରତ୍ନଚିତା, ଶ୍ରୀବଳଭଦ୍ରଙ୍କୁ ନୀଳା ଓ ଦେବୀ ସୁଭଦ୍ରାଙ୍କୁ ପାନା ହୀରା ଖଚିତ ରତ୍ନ ଚିତା ଲାଗି କରାଯିବ। ଚିତାଲାଗି ପରେ ମହାପ୍ରଭୁଙ୍କୁ ମହାସ୍ନାନ କରାଯିବ। ସ୍ନାନ ପୂର୍ଣ୍ଣିମା ଦିନ ମହାପ୍ରଭୁ ଅତ୍ୟଧିକ ସ୍ନାନ କରି ଜ୍ୱର ରୋଗରେ ପୀଡିତ ହୋଇ ଅଣସର ଘରେ ଥିଲେ। ସେହି ସମୟରେ ମହାପ୍ରଭୁଙ୍କ ଶ୍ରୀଅଙ୍ଗରୁ ଏହି ଚିତା ଗୁଡିକୁ କାଢ଼ି ନିଆ ଯାଇଥିଲା। ରଥଯାତ୍ରା ଦିନ ମହାପ୍ରଭୁଙ୍କୁ ସୋଲ ଚିତା ଲାଗି କରାଯାଇଥିଲା। 

ଗୁରୁବାର ସେହି ସୋଲ ଚିତାକୁ କଢ଼ାଯାଇ ଅସଲ ଚିତା ଲାଗି କରାଯିବ। ଶ୍ରୀମନ୍ଦିରରେ ଭୋଗମଣ୍ଡପ ନୀତି ସରିବା ପରେ ଏହି ବିଶେଷ ନୀତି ଅନୁଷ୍ଠିତ ହେବ। ଶ୍ରୀଦେବୀ ଓ ଭୂଦେବୀ ରତ୍ନ ସିଂହାସନରୁ ଆସି ଖଟ ଶେଯରେ ବିଜେ କରିବେ। ତେବେ ପ୍ରଥମ ଭୋଗମଣ୍ଡପ ଶେଷ ହେବା ପରେ ଦିନ ୨ଟା ୩୦ ଟାରୁ ସନ୍ଧ୍ୟା ୬ ଟା ୩୦ ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରଖାଯାଇ ଏହି ନୀତି ଅନୁଷ୍ଠିତ ହେବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.