ବିଦା ହେଲେ ଆଉ ୬ ଦୁର୍ନୀତିଗ୍ରସ୍ତ ଅଧିକାରୀ, ଏପର୍ଯ୍ୟନ୍ତ ବିଦା ହେଲେଣି ୧୫୮

Published By : Prameya-News7 Bureau | March 16, 2022 IST

ଭୁବନେଶ୍ବର ୧୬।୦୩: ଦୁର୍ନୀତିଗ୍ରସ୍ତ ଓ ଅପାରଗଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ । ଆଉ  ୬ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଲେ ରାଜ୍ୟ ସରକାର । ତିନି ଜଣ କାର୍ଯ୍ୟନିର୍ବାହୀ ଇଞ୍ଜିନିୟର, ପୋଲିସ ଇନ୍ସପେକ୍ଟର, ଅତିରିକ୍ତ ଯୋଗାଣ ଅଧିକାରୀ ଓ ଜିଲ୍ଲା କଲ୍ୟାଣ ଅଧିକାରୀ ଥିବା ଜଣାପଡିଛି । ଏବେ ଯାଏଁ ୧୫୮ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି ।

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ସାଧାରଣ ଜୀବନରେ କ୍ଷେତ୍ରରେ ଉଚ୍ଚ ନୈତିକତା ଓ ସାଧୁତା ବଜାୟ ରଖିବା ଉପରେ ସବୁବେଳେ ଗୁରୁତ୍ବ ଦେଇଆସିଛନ୍ତି। ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୁଦ୍ଧରେ ସବୁବେଳେ  ଶୂନ୍ୟ ସହିଷ୍ଣୁତା ଆଭିମୁଖ୍ୟ ଉପରେ ଜୋର ଦେଇଆସିଛନ୍ତି । ଜନସାଧାରଣଙ୍କୁ ସ୍ବଚ୍ଛ, ଦକ୍ଷ ଏବଂ ଉତ୍ତରଦାୟୀ ପ୍ରଶାସନ ମାଧ୍ୟମରେ ସେବା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିରନ୍ତର ପ୍ରଚେଷ୍ଟା ଜାରି ରଖିଛନ୍ତି।

ରାଜ୍ୟ ସରକାରଙ୍କ ଏହି ଆଭିମୁଖ୍ୟ ଅନୁଯାୟୀ ଏବେ ଆଉ ୬ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ଏବଂ ଏଥିରେ ବିଭିନ୍ନ କ୍ଷେତ୍ରରେ ଥିବା ଅଧିକାରୀ, ଯଥାକ୍ରମେ - ତିନି ଜଣ କାର୍ଯ୍ୟନିର୍ବାହୀ ଇଞ୍ଜିନିୟର, ଜଣେ ପୋଲିସ ଇନ୍ସପେକ୍ଟର, ଅତିରିକ୍ତ ଯୋଗାଣ ଅଧିକାରୀ ଓ ଜିଲ୍ଲା କଲ୍ୟାଣ ଅଧିକାରୀ ପ୍ରମୁଖ ଅନ୍ତର୍ଭୁକ୍ତ ।  ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୫୮ ଜଣ ଅଧିକାରୀଙ୍କୁ ଚାକିରୀରୁ ବରଖାସ୍ତ  ବା ବାଧ୍ୟତାମୂଳକ ଅବସର ଦିଆଯାଇଛି ।

ଏହି ୬ ଜଣଙ୍କ ମଧ୍ୟରୁ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ଅଧିନସ୍ଥ ଜନସ୍ବାସ୍ଥ୍ୟ ଇଞ୍ଜିନିୟରିଂ କ୍ୟାଡରର ୩ ଜଣ ଏକ୍‌ଜିକ୍ୟୁଟିଭ ଇଞ୍ଜିନିୟର ରହିଛନ୍ତି।  ଏମାନଙ୍କ ମଧ୍ୟରୁ ଶ୍ରୀ ସରୋଜ କୁମାର ଦାସଙ୍କ କାର୍ଯ୍ୟଶୈଳୀ ଆଦୌ ସନ୍ତୋଷଜନକ ନଥିଲା ଏବଂ ତାଙ୍କର ଅତୀତର ରେକର୍ଡରୁ ଜଣାଯାଇଛି ଯେ କାର୍ଯ୍ୟ କ୍ଷେତ୍ରରେ ଅତ୍ୟନ୍ତ ଅପାରଗ ଥିଲେ। ତାଙ୍କ କାର୍ଯ୍ୟଶୈଳୀରେ ଅସଙ୍ଗତି,  ନିଷ୍ଠାର ଅଭାବ ଏବଂ ଅପାରଗତା ଯୋଗୁ ସେ ଜଣେ ସରକାରୀ ଅଧିକାରୀ ଭାବେ ଦାୟିତ୍ବ ତୁଲାଇବା ଜନସ୍ବାର୍ଥର ପରିପନ୍ଥୀ । ତେଣୁ ତାଙ୍କୁ  ବାଧ୍ୟତାମୂଳକ ଅବସର ଦିଆଯାଇଛି ।

ସେହିପରି କାର୍ଯ୍ୟନିର୍ବାହୀ ଇଞ୍ଜିନିୟର ଶ୍ରୀ ଦୟାନିଧି ସାମଲଙ୍କ କାର୍ଯ୍ୟକଳାପ ମଧ୍ୟ ସନ୍ତୋଷଜନକ ନୁହେଁ।  ତାଙ୍କର କାର୍ଯ୍ୟକଳାପ ଜଣେ ଦାୟିତ୍ବବାନ ସରକାରୀ କର୍ମଚାରୀଙ୍କ କାର୍ଯ୍ୟର ପରିପନ୍ଥୀ ଓ ଜନସ୍ବାର୍ଥ ବିରୋଧୀ। ଏହାସହିତ ଅପାରଗତା ଓ ଅସାଧୁତା ଆଦି କାରଣରୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି। ଆଉ ଜଣେ କାର୍ଯ୍ୟନିର୍ବାହୀ ଇଞ୍ଜିନିୟର ଶ୍ରୀ କରୁଣାକର ଘଡାଇଙ୍କ ନାମରେ ଗୋଟିଏ ଦୁର୍ନୀତି ଅଭିଯୋଗ ରହିଛି। ଜଣେ ଯୋଗାଣକାରୀଙ୍କୁ ସେ ଅନୁଚିତ ଅନୁଗ୍ରହ ପ୍ରଦର୍ଶନ କରିଥିଲେ। ତାଙ୍କର କାର୍ଯ୍ୟକଳାପ ସନ୍ତୋଷଜନକ ନୁହେଁ ଏବଂ ତାଙ୍କ ବିରୁଦ୍ଧରେ ଅସାଧୁତାର ପ୍ରମାଣ ମଧ୍ୟ ରହିଛି । ତେଣୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି।

ସେପଟେ ଅନୁଗୁଳ ଜିଲ୍ଲା ପୋଲିସ ଇନ୍‌ସପେକ୍ଟର  ଶ୍ରୀ ରତ୍ନାକର ମଲ୍ଲିକଙ୍କୁ ଅପାରଗତା  କାରଣକୁ ବାଧ୍ୟତାମୂଳକ ଅବସର ଦିଆଯାଇଛି। ନୂଆପଡା ଜିଲ୍ଲାର ଅତିରିକ୍ତ ଯୋଗାଣ ଅଧିକାରୀ ଶ୍ରୀ ରତ୍ନାକର ସେଠୀଙ୍କ ନାମରେ ଦୁଇଟି ଦୁର୍ନୀତି ମାମଲା ରହିଛି । ଦୁର୍ନୀତି ନିବାରଣ ବିଭାଗ ପକ୍ଷରୁ ଚଢାଉ କରାଯାଇ ତାଙ୍କ ନିକଟରୁ ୬.୫ କୋଟିରୁ ଅଧିକ ଟଙ୍କାର ସମ୍ପତ୍ତି ଜବତ କରାଯାଇ ତାଙ୍କୁ ଜେଲ୍‌କୁ ପଠାଯାଇଛି । ଅସାଧୁତା କାରଣରୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।

ଅନୁଗୁଳ ଜିଲ୍ଲାର ପୂର୍ବତନ କଲ୍ୟାଣ ଅଧିକାରୀ ମିସ୍‌ ଚାରୁଲତା ମଲ୍ଲିକଙ୍କ ନାମରେ ଗୋଟିଏ ଦୁର୍ନୀତି ମାମଲା ରହିଛି। ଜିଲ୍ଲା କଲ୍ୟାଣ ଅଧିକାରୀ ଭାବରେ ସେ ଲାଞ୍ଚ ଗ୍ରହଣ କରୁଥିବା ବେଳେ ଦୁର୍ନୀତି ନିବାରଣ ବିଭାଗ ଦ୍ବାରା ଧରା ପଡିଥିଲେ। ତାଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଥିଲା। ବର୍ତ୍ତମାନ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୫୮ ଜଣ ଅଧିକାରୀଙ୍କୁ ଚାକିରୀରୁ ବହିଷ୍କାର ବା ବାଧ୍ୟତାମୂଳକ ଅବସର ଦିଆଯାଇଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.