ଭୁବନେଶ୍ବର ୨୫।୭: ବଙ୍ଗୋପସାଗରରେ ସୃଷ୍ଟି ହେଲା ଅବପାତ । ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ପଶ୍ଚିମବଙ୍ଗ ଏବଂ ବାଂଲାଦେଶ ଉପକୂଳରେ ଅବପାତ ସୃଷ୍ଟି ହୋଇଥିବା ଭୁବନେଶ୍ବର ଆଞ୍ଚଳିକ ପାମିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ଶୁକ୍ରବାର ସକାଳ ୫ଟା ୩୦ ମିନିଟ୍ ସମୟରେ ଅବପାତ ସୃଷ୍ଟି ହୋଇଥିବା ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ସୂଚନା ଦେଇଛନ୍ତି । ଏହା ପ୍ରଭାବରେ ଆସନ୍ତା ୨୮ ତାରିଖ ଯାଏଁ ରାଜ୍ୟରେ ବର୍ଷା ହେବା ନେଇ ସତର୍କ ସୂଚନା ଦିଆଯାଇଛି । କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଏହି ସମୟରେ ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି ।
ତେବେ ଏହା ପ୍ରଭାବରେ ଶୁକ୍ରବାର ମୟୂରଭଞ୍ଜ ଓ କେନ୍ଦୁଝରରେ ଅତି ଭୀଷଣ ବର୍ଷା ହୋଇପାରେ । ଏହି ଦୁଇ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଦିଆଯାଇଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, ଅନୁଗୁଳ, ଢେଙ୍କାନାଳ, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ଆକଳନ କରାଯାଇଛି । ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ।
ସେହିଭଳି ଶନିବାର ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ରେ ପ୍ରବଳରୁ ଅତିପ୍ରବଳ ବର୍ଷା ଆଶଙ୍କା ଅଛି । ଆଭ୍ୟନ୍ତରୀଣ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ରବିବାର ପଶ୍ଚିମ ଓଡ଼ିଶାର କିଛି ଜିଲ୍ଲାରେ ଭାରି ବର୍ଷା ଆଶଙ୍କା ରହିଛି । ଆଭ୍ୟନ୍ତରୀଣ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଆକଳନ କରିଛି ।
You Can Read:
ବଙ୍ଗୋପସାଗରକୁ ପ୍ରବେଶ କଲା Typhoon Wiphaର ଅବଶେଷ, ବର୍ଷା ସାଙ୍ଗକୁ ୫୦ କିମି ବେଗରେ ବହିପାରେ ପବନ