ଓଡ଼ିଶାରେ ପିଏମ୍ ଶ୍ରୀ ସ୍କୁଲ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ତୃତୀୟ ଥର ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ

Published By : Prameya-News7 Bureau | November 15, 2023 IST

ନୂଆଦିଲ୍ଲୀଭୁବନେଶ୍ୱର ୧୫।୧୧: ଓଡ଼ିଶାରେ ପିଏମ୍ ଶ୍ରୀ ଯୋଜନା ଲାଗୁ କରିବା ପାଇଁ ଦୁଇ ଦୁଇ ଥର ଚିଠି ଲେଖାଯିବା ପରେ ମଧ୍ୟ ଓଡ଼ିଶା ସରକାର ଭାରତ ସରକାରଙ୍କ ଶିକ୍ଷା ମନ୍ତ୍ରଣାଳୟର ସ୍କୁଲ ଶିକ୍ଷା ଓ ସାକ୍ଷରତା ବିଭାଗ (ଡିଓଏସଇଏଲ) ସହ ବୁଝାମଣା ପତ୍ର ସ୍ୱାକ୍ଷରିତ (ଏମୟଓୁ) କରିନାହାନ୍ତି । ଫଳରେ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ତୃତୀୟ  ଥର ପାଇଁ ପତ୍ର ଲେଖି ରାଜ୍ୟରେ ପିଏମ ଶ୍ରୀ ଯୋଜନା ଲାଗୁ କରିବା ତଥା ଏମଓୟୁ ସ୍ୱାକ୍ଷରିତ କରିବା ପାଇଁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେବା ପାଇଁ ଅନୁରୋଧ କରିଛନ୍ତି । 

କେନ୍ଦ୍ରମନ୍ତ୍ରୀ ପତ୍ରରେ ଉଲ୍ଲେଖ କରିଛନ୍ତି ଯେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କଳ୍ପନାରେ ସମଗ୍ର ଦେଶରେ ୧୪ ହଜାର ୫୦୦ ରୁ ଅଧିକ ପ୍ରଧାନମନ୍ତ୍ରୀ ସ୍କୁଲ ଫର୍ ରାଇଜିଂ ଇଣ୍ଡିଆ (ପିଏମ୍ ଶ୍ରୀ ସ୍କୁଲ) ପ୍ରତିଷ୍ଠାର ଲକ୍ଷ୍ୟ ନେଇ ୨୦୨୨ ସେପ୍ଟେମ୍ବର ୭ରେ  ପିଏମ୍ ଶ୍ରୀ ଯୋଜନାର ଶୁଭାରମ୍ଭ ହୋଇଥିଲା । ଏହି ସ୍କୁଲ ଗୁଡିକ ଜାତୀୟ ଶିକ୍ଷା ନୀତିର ପୂର୍ଣ୍ଣ ଭାବନାକୁ ନେଇ କାର୍ଯ୍ୟ କରିବ ତଥା ସମସ୍ତ ମୌଳିକ ଉପାଦାନକୁ ପ୍ରଦର୍ଶିତ କରିବ । ଏହା, ସବୁ ବିଦ୍ୟାଳୟ ପାଇଁ ଏକ ଉଦାହରଣ ଭାବରେ କାର୍ଯ୍ୟ କରିବ । ପିଏମ୍ ଶ୍ରୀ ସ୍କୁଲ ଗୁଡିକ ଉତ୍ସାହଭରା ପରିବେଶରେ ଛାତ୍ରଛାତ୍ରୀଙ୍କୁ ଗୁଣାତ୍ମକ ଶିକ୍ଷା ସହ ସର୍ବବ୍ୟାପୀ ଓ ସର୍ବସ୍ପର୍ଶୀ ଶିକ୍ଷା ପ୍ରଦାନ କରିବ । 

ଏହି ପରିପ୍ରେକ୍ଷୀରେ ଭାରତ ସରକାରଙ୍କ ଶିକ୍ଷା ମନ୍ତ୍ରଣାଳୟର ସ୍କୁଲ ଶିକ୍ଷା ଓ ସାକ୍ଷରତା ବିଭାଗ ସହ ଏମୟଓୁ ସ୍ୱାକ୍ଷର କରିବା ପାଇଁ ସମସ୍ତ ରାଜ୍ୟ ଏବଂ କେନ୍ଦ୍ର ଶାସିତ ଅଞ୍ଚଳକୁ ଅନୁରୋଧ କରାଯାଇଥିଲା । ବର୍ତ୍ତମାନ ସୁଦ୍ଧା ପ୍ରାୟ ଅଧିକାଂଶ ରାଜ୍ୟ ଏବଂ କେନ୍ଦ୍ର ଶାସିତ ଅଞ୍ଚଳ ଏହି ଏମଓୟୁ ସ୍ୱାକ୍ଷରିତ କରିସାରିଥିବା ବେଳେ ପ୍ରଥମ ପର୍ଯ୍ୟାୟରେ ସ୍କୁଲ ଚୟନ ସମ୍ପୂର୍ଣ୍ଣ ହୋଇସାରିଛି । ପିଏମ୍ ଶ୍ରୀ ସ୍କୁଲ ଯୋଜନାର କ୍ରିୟାନ୍ୱୟନ ପାଇଁ ପ୍ରଥମ କିସ୍ତି ମଧ୍ୟ ଜାରି ହୋଇଛି । ଦ୍ୱିତୀୟ ପର୍ଯ୍ୟାୟରେ ପିଏମ ଶ୍ରୀ ସ୍କୁଲ ପାଇଁ ଚୟନ ପ୍ରକ୍ରିୟା ଜାରି ରହିଥିବା ବେଳେ ଓଡ଼ିଶା ଏପର୍ଯ୍ୟନ୍ତ ଏହି ବୁଝାମଣା ପତ୍ର ସ୍ୱାକ୍ଷରିତ କରିନାହିଁ । ଏଥିପାଇଁ ପୂର୍ବରୁ ଗତ ଅକ୍ଟୋବର  ୯ ଏବଂ ମାର୍ଚ୍ଚ ୧୩ରେ ମୁଖ୍ୟମନ୍ତ୍ରୀଙ୍କୁ ପତ୍ର ଲେଖି ଅନୁରୋଧ କରାଯିବା ସତ୍ତ୍ୱେ ଏମଓୟୁ ସ୍ୱାକ୍ଷରିତ ହୋଇନାହିଁ । 

ତେଣୁ ଓଡ଼ିଶାରେ ପିଏମ୍ ଶ୍ରୀ ଯୋଜନା ପାଇଁ ବୁଝାମଣା ପତ୍ର ସ୍ୱାକ୍ଷରିତ କରିବା ପାଇଁ ସମ୍ପୃକ୍ତ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେବା ପାଇଁ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି । ଏହି ସ୍କୁଲ ଗୁଡିକ କେବଳ ଜ୍ଞାନର ବିକାଶ ଉପରେ ଗୁରୁତ୍ୱ ଦେବ ନାହିଁ ବରଂ ଏକବିଂଶ ଶତାବ୍ଦୀର ପ୍ରମୁଖ ଦକ୍ଷତା ସହିତ ସାମଗ୍ରିକ ବ୍ୟକ୍ତି ସୃଷ୍ଟି କରିବା ଦିଗରେ ସହାୟକ ହେବ । ପିଏମ୍ ଶ୍ରୀ ସ୍କୁଲରେ ସମସ୍ତ ଛାତ୍ରଛାତ୍ରୀଙ୍କ ଯତ୍ନ ନିଆଯିବା ସହ ସେମାନଙ୍କ ପାଠପଢା ପାଇଁ ଉତ୍ତମ ଭିତ୍ତିଭୂମି ଏବଂ ଉପଯୁକ୍ତ ସମ୍ବଳ ସହିତ ଅନେକ ଅଭିଜ୍ଞତା ଆଧାରିତ ଶିକ୍ଷା ପ୍ରଦାନ କରାଯିବ ବୋଲି କେନ୍ଦ୍ରମନ୍ତ୍ରୀ ପତ୍ରରେ ଉଲ୍ଲେଖ କରିଛନ୍ତି । 

You Can Read :

wp:embed {"url":"https://www.prameyanews7.com/home-guard-arrested-for-stealing-police-vehicle-in-bhadrak/","type":"wp-embed","providerNameSlug":"prameya-news-7"}
https://www.prameyanews7.com/home-guard-arrested-for-stealing-police-vehicle-in-bhadrak/
/wp:embed

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.