ଭୁବନେଶ୍ବର ୨୯।୬: ଅରବିନ୍ଦ ଅଗ୍ରୱାଲଙ୍କୁ ରଥ ପରିଚାଳନା ଦାୟିତ୍ବ ଦେଲେ ରାଜ୍ୟ ସରକାର । ଉଚ୍ଚ ଶିକ୍ଷା ବିଭାଗ ସଚିବ ଦାୟିତ୍ବ ସହ ରଥ ପରିଚାଳନା ଦାୟିତ୍ବ ତୁଲାଇବେ ଅରବିନ୍ଦ ଅଗ୍ରଓ୍ବାଲ । ସୁପରଭିଜନ ପାଇଁ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି ।
ସମ୍ପୂର୍ଣ୍ଣ ରଥଯାତ୍ରା ପରିଚାଳନା ଦାୟିତ୍ୱ ଅରବିନ୍ଦ ଅଗ୍ରୱାଲଙ୍କୁ ଦିଆଗଲା । ସମ୍ପୂର୍ଣ୍ଣ ରଥ ପରିଚାଳନା ଦାୟିତ୍ବ ନ୍ୟସ୍ତ କଲେ ସରକାର । ପୁରୀରେ ଦଳଚକଟା ପରେ ନୂଆ ଅଧିକାରୀଙ୍କୁ ଦାୟିତ୍ୱ ଦେଇଛନ୍ତି ସରକାର ।
ପୁରୀରେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ରଥଯାତ୍ରା ବିଶ୍ଵ ପ୍ରସିଦ୍ଧ । ଶରଧାବାଲିରେ ମହାପ୍ରଭୁଙ୍କ ଦିବ୍ୟ ଦର୍ଶନ ପାଇଁ ଲକ୍ଷ ଲକ୍ଷ ଭକ୍ତ ଅତ୍ୟନ୍ତ ଆଗ୍ରହ ଓ ଉତ୍କଣ୍ଠାର ସହ ଆସିଥାନ୍ତି । ସେହି ଉତ୍କଣ୍ଠା ଜନିତ ବ୍ୟଗ୍ରତା ଓ ଭିଡ କାରଣରୁ ତିନି ଜଣ ଶ୍ରଦ୍ଧାଳୁଙ୍କ ପରଲୋକ ଘଟିଛି । ଏ ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅତ୍ୟନ୍ତ ବ୍ୟଥିତ ହୋଇ ଦୁଃଖ ପ୍ରକାଶ କରିଛନ୍ତି । ମୁଖ୍ୟମନ୍ତ୍ରୀ ଏ ଘଟଣାରେ ବ୍ୟକ୍ତିଗତ ଭାବେ ତଥା ରାଜ୍ୟ ସରକାରଙ୍କ ପକ୍ଷରୁ କ୍ଷମା ପ୍ରାର୍ଥନା କରିଛନ୍ତି ।
ପରଲୋକଗତ ଭକ୍ତ ମାନଙ୍କ ପରିବାର ବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ସମବେଦନା ଜଣାଇବା ସହିତ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ୨୫ ଲକ୍ଷ ଟଙ୍କା ଲେଖାଏଁ ଆର୍ଥିକ ସହାୟତା ରାଶି ଘୋଷଣା କରିଛନ୍ତି । ଏହି ଘଟଣାର ସଂପୂର୍ଣ୍ଣ ପ୍ରଶାସନିକ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଏହି ତଦନ୍ତ କରାଯିବ ।
ଏହା ସହିତ ପୁରୀ ଜିଲ୍ଲାପାଳ ଓ ଏସ୍ପିଙ୍କୁ ମଧ୍ୟ ବଦଳି କରାଯାଇଛି । ନୂତନ ଜିଲ୍ଲାପାଳ ଭାବେ ଚଞ୍ଚଲ୍ ରାଣାଙ୍କୁ ନିଯୁକ୍ତ କରାଯାଇଥିବା ବେଳେ ନୂତନ ଏସ୍ପି ଭାବେ ପିନାକ ମିଶ୍ରଙ୍କୁ ଦାୟିତ୍ଵ ଦିଆଯାଇଛି । ଏହା ସହିତ DCP ବିଷ୍ଣୁ ପତି ଓ କମାଣ୍ଡାଣ୍ଟ ଅଜୟ ପାଢୀଙ୍କୁ ଦାୟିତ୍ବରେ ଅବହେଳା ଅଭିଯୋଗ ଯୋଗୁଁ ନିଲମ୍ବିତ କରାଯାଇଛି ।
ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ମହାପ୍ରଭୁଙ୍କ ରଥଯାତ୍ରା ଆମ ଓଡ଼ିଆ ଜାତିର ଗର୍ବ ଓ ଗୌରବ । ଏଥିରେ ସାମାନ୍ୟ ଅବହେଳା ବରଦାସ୍ତ କରାଯିବ ନାହିଁ । ସମସ୍ତ ଦାୟୀ ବ୍ୟକ୍ତିଙ୍କ ବିରୁଦ୍ଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ।
You Can Read: