ଭୁବନେଶ୍ୱର ୧।୬: ରାଜ୍ୟ ସରକାରଙ୍କ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗ ପକ୍ଷରୁ ସ୍ଥାନୀୟ ଲୋକସେବା ଭବନ ସମ୍ମେଳନ କକ୍ଷଠାରେ ରାଜ୍ୟସ୍ତରୀୟ ବିଶ୍ଵ ଦୁଗ୍ଧ ଦିବସ-୨୦୨୫ ପାଳନ ହୋଇଯାଇଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଓମଫେଡ଼ ଦୁଗ୍ଧ ଉତ୍ପାଦକ ମାନଙ୍କୁ ସରକାରଙ୍କ ତରଫରୁ ଲିଟର ପିଛା ୩ ଟଙ୍କା ଅଧିକ ଦାମ ଦିଆଯିବ ବୋଲି ଘୋଷଣା କରିଛନ୍ତି । ଏହାସହ ଓମଫେଡ ଚାଷୀ ମାନଙ୍କୁ ୧ ଲକ୍ଷ ଟଙ୍କା ଦୁର୍ଘଟଣା ଜନିତ ମୃତ୍ୟୁ ସହାୟତା ରାଶି ପ୍ରଦାନ କରାଯିବ ବୋଲି ଘୋଷଣା କରିଥିଲେ ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ଓମଫେଡ୍ ବାଲ୍ଟି ଦହି, ଏ-୨ ମିଲ୍କ, ଏ-୨ ଘିଅର ଶୁଭ ଉଦ୍ଘାଟନ କରିଥିଲେ । ଏହାସହ କାମଧେନୁ ଯୋଜନା ଅନ୍ତର୍ଗତ ଗୋପାଳନ, ମଇଁଷି ଉଦ୍ୟୋଗ ବିକାଶ, ମାଈ ବାଛୁରୀ ପାଳନ, ଗୋମହିଷାଦିଙ୍କ ବୀମାକରଣ, ଗୋପାଳକଙ୍କ ଆୟବୃଦ୍ଧି ନିମନ୍ତେ ନଗଦ ପ୍ରୋତ୍ସାହନ ଏବଂ ଘାସଚାଷ ପାଇଁ ହିତାଧିକାରୀଙ୍କୁ ଆର୍ଥିକ ସହାୟତା ପ୍ରଦାନ କରିଥିଲେ । ୨୦୨୪-୨୫ ଆର୍ଥିକ ବର୍ଷରେ କାମଧେନୁ ଯୋଜନାରେ ପ୍ରାୟ ୩ ଲକ୍ଷ ଗୋପାଳକଙ୍କୁ ୭୧ କୋଟି ଟଙ୍କାର ସହାୟତା ପ୍ରଦାନ କରିଥିଲେ ମୁଖ୍ୟମନ୍ତ୍ରୀ । ରାଜ୍ୟର ୭୭ ଗୋଟି ପଞ୍ଜିକୃତ ଗୋଶାଳାରେ ଅସହାୟ ଗାଈଗୋରୁଙ୍କ ରକ୍ଷଣାବେକ୍ଷଣ ପାଇଁ ପ୍ରାଣୀକଲ୍ୟାଣ ସଂଗଠନ ମାନଙ୍କୁ ୧୦.୫ କୋଟି ଟଙ୍କାର ଆର୍ଥିକ ସହାୟତା ବଣ୍ଟନ କରିଥିଲେ ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଓଡ଼ିଶା ଏକ କୃଷିପ୍ରଧାନ ରାଜ୍ୟ ଏବଂ ଦୁଗ୍ଧ ଉତ୍ପାଦନ ଆମ ଗ୍ରାମୀଣ ଅର୍ଥନୀତିର ଏକ ପ୍ରମୁଖ ଅଙ୍ଗ । ଏହା କେବଳ ଏକ ଆୟର ଉତ୍ସ ନୁହେଁ ବରଂ ଆମ ସମାଜରେ ପୁଷ୍ଟିକର ଖାଦ୍ୟ ଯୋଗାଇବାରେ ମଧ୍ୟ ଏହା ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରୁଛି । ଆମ ରାଜ୍ୟରେ ୨୦୨୩-୨୪ ବର୍ଷରେ ୨୬.୪ ଲକ୍ଷ ମେଟ୍ରିକ ଟନ୍ ଦୁଗ୍ଧ ଉତ୍ପାଦିତ ହୋଇଥିବା ବେଳେ ଏହାକୁ ଆଗାମୀ ୫ ବର୍ଷରେ ଦ୍ବିଗୁଣିତ କରିବା ପାଇଁ ଆମ ସରକାର ପ୍ରୟାସଶୀଳ । ସେଥିପାଇଁ ଆମର ଏହି ଲୋକଙ୍କ ସରକାର ରାଜ୍ୟରେ ଗୋପାଳନର ବିକାଶ ଓ ଦୁଗ୍ଧ ଉତ୍ପାଦନ ବୃଦ୍ଧି ପାଇଁ ଆରମ୍ଭ କରିଛନ୍ତି, ‘ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନା’। ସେ କହିଥିଲେ ଯେ, ‘ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନା’ରେ ୭୦ ପ୍ରତିଶତ ପର୍ଯ୍ୟନ୍ତ ଆର୍ଥିକ ସହାୟତା ଯୋଗାଇ ଦିଆଯାଉଛି । ଗତ ୨୦୨୪-୨୫ ଆର୍ଥିକ ବର୍ଷରେ ଏହି ଯୋଜନାରେ ୩ ଲକ୍ଷ ହିତାଧିକାରୀ ୭୧ କୋଟି ଟଙ୍କାର ଅନୁଦାନ ରାଶି ପାଇ ଉପକୃତ ହୋଇସାରିଲେଣି । ଏହି କାମଧେନୁ ଯୋଜନା ଅଧିନରେ ଅନେକ ଯୋଜନା ଆଜି ଆମର ରାଜ୍ୟ ଚାଷୀଙ୍କୁ ସମୃଦ୍ଧ କରୁଛି ।
ପ୍ରାଣୀକଲ୍ୟାଣ ପ୍ରତି ଆମ ସରକାର ସର୍ବଦା ସମ୍ବେଦନଶୀଳ । ସହାନୁଭୂତି, ସଂବେଦନଶୀଳତା ଓ ପର୍ଯ୍ୟାବରଣ ସୁରକ୍ଷା ପ୍ରତି ଥିବା ଉତ୍ତରଦାୟିତ୍ବକୁ ଭଲଭାବରେ ବୁଝି ନୂତନ ଗୋଶାଳା ପ୍ରତିଷ୍ଠା ଓ ପଞ୍ଜୀକୃତ ଗୋଶାଳାକୁ ସହାୟତା ଲକ୍ଷ୍ୟରେ ଆମ ସରକାର ୧୮୬ କୋଟି ଟଙ୍କା ବ୍ୟୟ-ଅଟକଳରେ ‘ମୁଖ୍ୟମନ୍ତ୍ରୀ ପ୍ରାଣୀକଲ୍ୟାଣ ଯୋଜନା’ର ଶୁଭାରମ୍ଭ କରିଛନ୍ତି । ଏହି ଯୋଜନାରେ ବୁଲା ଓ ଅସହାୟ ଗୋରୁଗାଈଙ୍କ ଖାଦ୍ୟ, ରକ୍ଷଣାବେକ୍ଷଣ ଓ ପରିଚାଳନା ନିମନ୍ତେ ପଞ୍ଜୀକୃତ ଗୋଶାଳାଗୁଡିକୁ ଗୋରୁ ପିଛା ଦୁଇଟି କିସ୍ତିରେ ୨୦ ହଜାର ଟଙ୍କାର ଆର୍ଥିକ ସହାୟତା ଦିଆଯାଉଛି । ପ୍ରଥମ ପର୍ଯ୍ୟାୟରେ ଗତ ନଭେମ୍ବର ମାସରେ ୬୮ଟି ଗୋଶାଳାକୁ ୯ କୋଟି ଟଙ୍କା ପ୍ରଦାନ କରାଯାଇଥିବା ବେଳେ ଦ୍ବିତୀୟ ପର୍ଯ୍ୟାୟରେ ୭୭ଟି ଗୋଶାଳାକୁ ୧୦.୫ କୋଟି ଟଙ୍କାର ଅନୁଦାନ ଆଜି ଦିଆଯାଇଛି । ଏହି ଅର୍ଥ ରାଜ୍ୟର ପ୍ରାୟ ୨୨ହଜାର ନିରାଶ୍ରୟ ଗୋରୁଗାଈଙ୍କ ରକ୍ଷଣାବେକ୍ଷଣରେ ଖର୍ଚ୍ଚ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।
ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଯେ, ଅତ୍ୟନ୍ତ ଆନନ୍ଦର ବିଷୟ, ରାଜ୍ୟର ଖାଉଟିଙ୍କ ଆଗ୍ରହକୁ ଦୃଷ୍ଟିରେ ରଖି ଆଜି ଓମଫେଡ଼ ପକ୍ଷରୁ ତିନୋଟି ନୂଆ ଉତ୍ପାଦର ବଜାରପ୍ରବେଶ କରାଯାଉଛି । ସେଗୁଡିକ ହେଲା-ବାଲ୍ଟି ଦହି, ଆମ ଓଡିଶାର ବିଞ୍ଝାରପୁରୀ ଗାଈ କ୍ଷୀରରୁ ପ୍ରସ୍ତୁତ ଦେଶୀ ଗାଈ ଘିଅ ଓ ସେହି ଗାଈ ପ୍ରଜାତିର A2 କ୍ଷୀର । ଆଜିଠାରୁ ରାଜ୍ୟର ଓମଫେଡ଼ ଦୁଗ୍ଧ ଉତ୍ପାଦକମାନଙ୍କୁ ସରକାରଙ୍କ ତରଫରୁ ଲିଟର ପିଛା ୩ ଟଙ୍କା ଅଧିକ ଦାମ ଦିଆଯିବ। ଖାଉଟିମାନଙ୍କ ପାଇଁ ବୃଦ୍ଧି ହେବାକୁ ଥିବା ଲିଟର ପ୍ରତି ୪ ଟଙ୍କାରୁ ୨ ଟଙ୍କା ସରକାର ବହନ କରିବେ। ଏହାଦ୍ଵାରା ରାଜ୍ୟର ପ୍ରାୟ ୨.୫ ଲକ୍ଷ ଗୋପାଳକ ସିଧାସଳଖ ଲାଭବାନ ହୋଇପାରିବେ। ଆମେ ଚାହୁଁଛୁ ଯେ ଓଡ଼ିଶା ଏକ ଦୁଗ୍ଧ ଉତ୍ପାଦନ ରାଜ୍ୟ ଭାବରେ ଦେଶରେ ଏକ ମଡେଲ୍ ସ୍ଥାନ ନେଉ । ଆମେ ସମସ୍ତେ ମିଳିତ ଭାବେ ଦୁଗ୍ଧ ସମୃଦ୍ଧ ଓଡ଼ିଶା, ସୁସ୍ଥ ଓଡ଼ିଶା ନାରାକୁ ସାକାର କରିବା ଉଚିତ ବୋଲିମୁଖ୍ୟମନ୍ତ୍ରୀ ପରିଶେଷରେ କହିଥିଲେ ।
ଏହି କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ଆଇନ, ପୂର୍ତ୍ତ ଏବଂ ଅବକାରୀ ମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନ, ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ତଥା ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ, ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ବିଭାଗର ପ୍ରମୁଖ ଶାସନ ସଚିବ ସୁରେଶ କୁମାର ବଶିଷ୍ଠ, ପ୍ରାଣୀପାଳନ ଓ ପ୍ରାଣୀଚିକିତ୍ସା ନିର୍ଦ୍ଦେଶକ ବିଜୟ ଅମୃତା କୁଲାଙ୍ଗେ, ବିଭିନ୍ନ ପ୍ରାଣୀକଲ୍ୟାଣ ସଂଗଠନର କର୍ମକର୍ତ୍ତା, ରାଜ୍ୟର ବିଭିନ୍ନ ଅଞ୍ଚଳର ଗୋପାଳକ ଓ ପ୍ରାଣୀପାଳକ ପ୍ରମୁଖ ଅଂଶଗ୍ରହଣ କରିଥିଲେ ।
You Can Read:
ବିସ୍ଫୋରକ ଭର୍ତ୍ତି ଦୁଇ ମିନି ଟ୍ରକ୍ ଜବତ : ଖୋଳତାଡ଼ କରୁଛି ରଘୁନାଥପାଲି ଥାନା ପୋଲିସ