ଭୁବନେଶ୍ୱର ୨୯।୦୬ : ଆସନ୍ତା ତିନି ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ଦକ୍ଷିଣ ପଶ୍ଚିମ ବାଂଲାଦେଶ ଓ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆଜି ଏହା ଘନୀଭୂତ ହୋଇ ଲଘୁଚାପ ରୂପ ନେଇପାରେ । ପ୍ରଭାବରେ ଅନେକ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।
ସେହିପରି ଆଜି ମୟୂରଭଞ୍ଜରେ ଅତିପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ବାଲେଶ୍ଵର ଓ ଭଦ୍ରକରେ ଅଧିକ ବର୍ଷା ହୋଇପାରେ। ସମ୍ବଲପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତିରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଅଛି। ସୋମବାର ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ରେ ଅତିପ୍ରବଳ ବର୍ଷା ହୋଇପାରେ। ଦେବଗଡ଼, ସମ୍ବଲପୁର ଓ ଝାରସୁଗୁଡ଼ାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆସନ୍ତା ୧ ତାରିଖରେ ନୟାଗଡ଼, କଳାହାଣ୍ଡି ଓ କନ୍ଧମାଳରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।