ରାଜ୍ୟରେ ୧୨ରୁ ପୁଣି ସକ୍ରିୟ ହେବ ମୌସୁମୀ, ଆଜିଠୁ ବଢ଼ିପାରେ ବର୍ଷା

Published By : Prameya-News7 Bureau | June 10, 2025 IST

ଭୁବନେଶ୍ୱର ୧୦।୦୬ : ଆସନ୍ତା ୧୨ ତାରିଖରୁ ମୌସୁମୀ ପୁଣି ଥରେ ସକ୍ରିୟ ହୋଇପାରେ । ଦକ୍ଷିଣ ଭାରତର ରାଜ୍ୟଗୁଡ଼ିକରେ ମୌସୁମୀ ସକ୍ରିୟ ହେବା ସହ କର୍ଣ୍ଣାଟକ ଓ କୋଙ୍କଣ-ଗୋଆରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ୧୨ ପରେ ଓଡ଼ିଶାରେ ବି ମୌସୁମୀ ବର୍ଷା  ଆରମ୍ଭ ହୋଇଯିବ ବୋଲି ପାଣିପାଗ ବିଶେଷଜ୍ଞ ପୂର୍ବାନୁମାନ କରିଛନ୍ତି। 

ସୋଆ ଜଳବାୟୁ ଓ ପରିବେଶ କେନ୍ଦ୍ର ନିର୍ଦ୍ଦେଶକ ଡ. ଶରତ ସାହୁଙ୍କ ଆକଳନ କହୁଛି, ଘୂର୍ଣ୍ଣିବଳୟ ପ୍ରଭାବରେ ୧୩ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ। ଦକ୍ଷିଣ ଓଡ଼ିଶା ଓ ଉପକୂଳ ଓଡ଼ିଶା ସମେତ ଅନ୍ୟ ସ୍ଥାନରେ ବର୍ଷା ହୋଇପାରେ। ତେବେ ୧୨ତାରିଖ ପରେ ମୌସୁମୀ  ପୁଣି ସକ୍ରିୟ ହେବା ସହ ବର୍ଷା ଆରମ୍ଭ ହୋଇଯିବ। ୧୬ ଓ ୧୭ ତାରିଖରେ ଉତ୍ତର ଓଡ଼ିଶାରେ ଅଧିକ ବର୍ଷା ସମ୍ଭାବନା ବୋଲି ସେ କହିଛନ୍ତି ।

ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ, ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଉପକୂଳ ଓଡ଼ିଶା ଉପର ଭାଗରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ। ମଙ୍ଗଳବାର  ମୟୂରଭଞ୍ଜ,ଗଜପତି, ଗଞ୍ଜାମ ଓ କନ୍ଧମାଳରେ ଘଡ଼ଘଡ଼ି ସହିତ ଅଧିକ ବର୍ଷା ସମ୍ଭାବନା ଅଛି। ଏହି ସବୁ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, ନୟାଗଡ଼, କଳାହାଣ୍ଡି, କୋରାପୁଟ, ମାଲକାନଗିରି ଓ ରାୟଗଡ଼ାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। 

୧୧ ତାରିଖରେ ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୋନପୁର,  ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି ଓ ମୟୂରଭଞ୍ଜରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଅଛି । ୧୨, ୧୩, ୧୪ ଓ ୧୫ ତାରିଖରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାର ଅନେକ ସ୍ଥାନରେ ବର୍ଷା ହେବାକୁ ଥିବାରୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି।

  • Weather
  • Weather Forecast
  • Weather update
  • prameyanews7
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.