ପୁରୀ ୨୩।୧୧ : ଆଜି ପବିତ୍ର କାର୍ତ୍ତିକ ଶୁକ୍ଳ ଚତୁର୍ଦ୍ଦଶୀ ତିଥି। ପଞ୍ଚୁକର ଚତୁର୍ଦ୍ଦଶୀ ଅବସରରେ ମହାପ୍ରଭୁଙ୍କର ଲକ୍ଷ୍ମୀନୃସିଂହ ବେଶ ଅନୁଷ୍ଠିତ ହେଉଛି। ଶ୍ରୀମନ୍ଦିରରେ ଅବକାଶ ନୀତି ବଢ଼ିବା ପରେ ପୁଷ୍ପାଳକ ସେବକ ମାନେ ମହାପ୍ରଭୁଙ୍କୁ ପାଟବସ୍ତ୍ରରେ ବିଭୂଷିତ କରି ଏହି ବେଶ କରିଥାନ୍ତି। ଏହି ବେଶରେ ମହାପ୍ରଭୁ ଶ୍ରୀଜଗନ୍ନାଥ ସୁବର୍ଣ୍ଣର ଶ୍ରୀଭୁଜ, ଶ୍ରୀପୟର ଏବଂ ଚକ୍ର ସହ ରୌପ୍ୟର ଶଙ୍ଖ ଧାରଣ କରିଥାନ୍ତି। ପ୍ରଭୁ ବଳଭଦ୍ର ମଧ୍ୟ ସୁବର୍ଣ୍ଣର ଶ୍ରୀଭୁଜ, ଶ୍ରୀପୟର ଏବଂ ହଳମୂଷଳ ଧାରଣ କରିଥାନ୍ତି।

ସେହିପରି ମହାପ୍ରଭୁ ଶ୍ରୀଜଗନ୍ନାଥ ଏବଂ ପ୍ରଭୁ ବଳଭଦ୍ର ମସ୍ତକରେ ଯେଉଁ ଚୂଳ ଧାରଣ କରିଥାନ୍ତି ସେଥିରେ ସୁବର୍ଣ୍ଣର କିଆ ଗୁଡ଼ିକ ଆଡ଼ ବାଗିଆ ଲଗାଯାଇଥାଏ। ଏହି ବେଶ ସହ ଯୋଡ଼ା ରହିଛି କିମ୍ବଦନ୍ତୀ । ଇନ୍ଦ୍ରଦ୍ୟୁମ୍ନ ମହାରାଜା ଯେତେବେଳେ ରତ୍ନସିଂହାସନ ଉପରେ ପ୍ରଥମେ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଦର୍ଶନ କରିବାକୁ ଯାଇଥିଲେ ସେତେବେଳେ ମହାପ୍ରଭୁ ତାଙ୍କୁ ନୃସିଂହ ବେଶରେ ଦର୍ଶନ ଦେଇଥିବା କୁହାଯାଏ । ସେହି ସ୍ମୃତିରେ କାର୍ତ୍ତିକ ମାସ ଚତୁର୍ଦ୍ଦଶୀ ତିଥିରେ ମହାପ୍ରଭୁଙ୍କ ଲକ୍ଷ୍ମୀନୃସିହଂ ବେଶ ହୋଇଥାଏ। ଏହାକୁ ଦର୍ଶନ କରିବାକୁ ସକାଳୁ ଶ୍ରୀମନ୍ଦିରରେ ଭକ୍ତଙ୍କ ଗହଳି ଲାଗିଛି ।

Also Read:-ଧିରେ ଧିରେ ଆସୁଛି ଶୀତ, କମ୍ ଥଣ୍ଡାରେ ଢାଙ୍କିଦେବ ଘନ କୁହୁଡି

ସେପଟେ ଆସନ୍ତାକାଲି କାର୍ତ୍ତିକ ପୂର୍ଣ୍ଣିମାରେ ମହାପ୍ରଭୁଙ୍କ ରାଜରାଜେଶ୍ଵର ବା ସୁନାବେଶ ଅନୁଷ୍ଠିତ ହେବାକୁ ଥିବାବେଳେ ଶ୍ରୀମନ୍ଦିର, ଜିଲ୍ଲା ଓ ପୋଲିସ ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସ୍ଥା ଚୁଡାନ୍ତ ହୋଇଛି। ମହାପ୍ରଭୁଙ୍କ ଏହି ଦୁର୍ଲଭ ସୁନାବେଶ ଦର୍ଶନ କରିବା ପାଇଁ ଭକ୍ତମାନେ ବେଶ ଉତ୍କଣ୍ଠାର ସହ ଅପେକ୍ଷା କରିଛନ୍ତି।

Watch Video:-

​​​​​​​