ଭୁବନେଶ୍ବର: ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ତତ୍ ସଂଲଗ୍ନ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ସୃଷ୍ଟ ଲଘୁଚାପ ଏବେ ସକ୍ରିୟ ରହିଛି। ଅବଶ୍ୟ ଏହା ଅଧିକ ଘନୀଭୂତ ହୋଇ ବାତ୍ୟାର ରୁପ ନେବ କି ନାହିଁ ଆକଳନ କରାଯାଇନାହିଁ । ହେଲେ ଅବପାତ ପ୍ରଭାବରେ ବଡ଼ ବର୍ଷା ହେବା ନେଇ ସ୍ପଷ୍ଟ ହୋଇଛି । ଫଳରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ପଶ୍ଚିମ- ଉତ୍ତରପଶ୍ଚିମ ଦିଗକୁ ଗତି କରି ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତ ରୂପ ନେବାର ସମ୍ଭାବନା ରହିଛି।

ଆଉ ଏହାର ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହୋଇ ପଶ୍ଚିମ କେନ୍ଦ୍ରୀୟ ଏବଂ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଗଭୀର ଅବପାତ ରୂପ ନେଇପାରେ। ଯଦି ଗଭୀର ଅବପାତ ହୁଏ ତେବେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ୨୩ ସେପ୍ଟେମ୍ବର ସକାଳ ସୁଦ୍ଧା ଉତ୍ତର ଆନ୍ଧ୍ରପ୍ରଦେଶ–ଦକ୍ଷିଣ ଓଡ଼ିଶା ଉପକୂଳ ନିକଟରେ ପହଞ୍ଚିବାର ସମ୍ଭାବନା ରହିଛି । କିନ୍ତୁ ଏହା ସମ୍ପୂର୍ଣ୍ଣ ବାତ୍ୟାର ରୂପ ନେବ କି ନାହିଁ ତାହା ଏପର୍ଯ୍ୟନ୍ତ ଭାରତୀୟ ପାଣିପାଗ ବିଭାଗ ସ୍ପଷ୍ଟ କରିନି ।

ସେପଟେ ଲଘୁଚାପ ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଆରମ୍ଭ ହୋଇଗଲାଣି । ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୨୨ ତାରିଖରୁ ୨୬ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ନେଇ ଆକଳନ କରାଯାଇଛି। ଆସନ୍ତା ୨୪ ଘଣ୍ଟା ପାଇଁ ଢେଙ୍କାନାଳ, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ଝଡ଼ବର୍ଷା ସହ ପାଣିପାଗ ଅସ୍ଥିର ରହିବା ନେଇ ପୁର୍ବାନୁମାନ କରାଯାଇଛି। ଏହି ସମୟରେ କିଛି ସ୍ଥାନରେ ୪୦ରୁ ୫୦ କିମି ପ୍ରତିଘଣ୍ଟା ବେଗରେ ଝଡ଼ ପବନ ସହ ବଜ୍ରପାତ ହୋଇପାରେ। ତେଣୁ ପାଣିପାଗ ବିଭାଗ ପକ୍ଷରୁ ଜାରି ହୋଇଛି ଅରେଞ୍ଜ ଆଲର୍ଟ ଜାରି ହୋଇଛି।

Also Read: ବଙ୍ଗୋପସାଗରରେ ଲଘୁଚାପ ଅଧିକ ଘନୀଭୂତ, ଓଡ଼ିଶା ପାଇଁ ବଡ଼ ବର୍ଷା ଚେତାବନୀ ଦେଲା IMD

ସେହିପରି ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଅନୁଗୁଳ, ବୌଦ୍ଧ, କନ୍ଧମାଳ,ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଆଦି ଜିଲ୍ଲାରେ ମଧ୍ୟ ବଜ୍ରପାତ ସହ ଝଡ଼ ପବନର ସମ୍ଭାବନା ରହିଛି । ତେଣୁ ଏହି ୩ ଜିଲ୍ଲାକୁ ରେଡ୍ ଆଲର୍ଟ ସହ ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, କନ୍ଧମାଳ, ମାଲକାନଗିରି, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ ଓ ଜଗତସିଂହପୁର ଭଳି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ଥିବାରୁ ଅରେଞ୍ଜ ଆଲର୍ଟ ଓ ବରଗଡ଼, ନୂଆପଡ଼ା, ବଲାଙ୍ଗିର, ସୁବର୍ଣ୍ଣପୁର, ବୌଦ୍ଧ, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ କେନ୍ଦ୍ରାପଡ଼ାରେ ପ୍ରବଳ ବର୍ଷା ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଥିବା ସୂଚନା ଦେଇଛନ୍ତି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ଡ. ମନୋରମା ମହାନ୍ତି ।