ପୁରୀ ୨୯।୦୬ : ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଶରଧାବାଲିରେ ମହାପ୍ରଭୁଙ୍କ ଦିବ୍ୟ ଦର୍ଶନ ପାଇଁ ଲକ୍ଷ ଲକ୍ଷ ଭକ୍ତ ଅତ୍ୟନ୍ତ ଆଗ୍ରହ ଓ ଉତ୍କଣ୍ଠାର ସହ ଆସିଥାନ୍ତି । ରଥଯାତ୍ରାରେ ଭିଡ଼ ଜନିତ ଅଘଟଣକୁ ୩ ଜଣ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ହୋଇଛି । ଏ ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଅତ୍ୟନ୍ତ ବ୍ୟଥିତ ହୋଇ ଦୁଃଖ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ପରଲୋକଗତ ଭକ୍ତମାନଙ୍କ ପରିବାର ବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ସମବେଦନା ଜଣାଇବା ସହିତ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ୨୫ ଲକ୍ଷ ଟଙ୍କା ଲେଖାଏଁ ଆର୍ଥିକ ସହାୟତା ରାଶି ଘୋଷଣା କରିଛନ୍ତି। ଏଥିସହ ଆହତଙ୍କୁ ଉତ୍ତମ ଚିକିତ୍ସା ମିଳିବ ବୋଲି ଘୋଷଣା କରାଯାଇଛି ।
ସୂଚନାଯୋଗ୍ୟ ଯେ, ରବିବାର ଭୋର ସମୟରେ ମହାପ୍ରଭୁଙ୍କ ତିନି ରଥ ସାମ୍ନାରେ ବଡ଼ ଧରଣର ଅଘଟଣ ଘଟିଥିଲା। ରବିବାର ଭୋର ୪ଟା ୫୦ରେ ଶରଧାବାଲିରେ ଠେଲାପେଲା ହୋଇଥିଲା । ଏହି ଦଳାଚକଟାରେ ୩ଜଣ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକ ଆହତ ହୋଇଛନ୍ତି । ସମସ୍ତ ମୃତକ ଖୋର୍ଦ୍ଧା ଜିଲ୍ଲାର ବୋଲି ଜଣାପଡ଼ିଛି । ସେମାନଙ୍କ ମଧ୍ୟରୁ ୨ ଜଣ ମହିଳା ପ୍ରଭାତୀ ଦାସ ଏବଂ ବାସନ୍ତୀ ସାହୁ ରଥ ସାମ୍ନାରେ ପ୍ରାଣ ହରାଇଛନ୍ତି । ଅନ୍ୟ ଜଣେ ୭୦ ବର୍ଷୀୟ ବୃଦ୍ଧ ପ୍ରେମାକାନ୍ତ ମହାନ୍ତିଙ୍କର ହସ୍ପିଟାଲରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି।