ଭୁବନେଶ୍ବର ୧୭।୧୧: ବଙ୍ଗୋପସାଗରରେ ଘନୀଭୂତ ହେଉଛି ସମ୍ଭାବ୍ୟ ବାତ୍ୟା ‘ଅକଭାନ୍’ । ଘଣ୍ଟାପ୍ରତି ୩ କିଲୋମିଟର ବେଗରେ ଉତ୍ତର-ଉତ୍ତର ପଶ୍ଚିମ ଦିଗକୁ ଗତି କରି ଆଜି ସନ୍ଧ୍ୟା ସୁଦ୍ଧା ଭୀଷଣ ବାତ୍ୟାରେ ପରିଣତ ହେବାର ସମ୍ଭାବନା ରହିଛି । ୧୯ ତାରିଖ ସକାଳ ସୁଦ୍ଧା ଅତି ଭୀଷଣ ବାତ୍ୟାର ରୂପ ନେବା ସହ ନଭେମ୍ବର ୨୦ ତାରିଖ ମଧ୍ୟାହ୍ନରେ ଆନ୍ଧ୍ରପ୍ରଦେଶର ନେଲୋର ଓ ଟୁନି ମଧ୍ୟରେ ୟାନମ୍ ନିକଟବର୍ତ୍ତୀ ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି ।

ବର୍ତ୍ତମାନ ଗୋପାଳପୁର ଠାରୁ ଦକ୍ଷିଣରେ ପ୍ରାୟ ୭୯୦ କିଲୋମିଟର ଦୂରରେ କେନ୍ଦ୍ରୀଭୂତ ଥିବା ଏହି ବାତ୍ୟା ସ୍ଥଳଭାଗ ଛୁଇଁବା ସମୟରେ ପବନର ବେଗ ଘଣ୍ଟାପ୍ରତି ୧୨୦ରୁ ୧୩୦ କିଲୋମିଟର ଏବଂ ଝଟ୍‌କା ପବନ ୧୪୫ କିଲୋମିଟର ପର୍ଯ୍ୟନ୍ତ ରହିବା ଆଶଙ୍କା କରାଯାଉଛି ।

ଏହା ପ୍ରଭାବରେ ୧୮ ତାରିଖରୁ ରାଜ୍ୟର ଉପକୂଳ ଓ ଦକ୍ଷିଣ ଓଡ଼ିଶାର ୧୬ଟି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଆରମ୍ଭ ହୋଇ ୧୯ ତାରିଖରେ ସାରା ରାଜ୍ୟରେ ବିସ୍ତୃତ ଭାବେ ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ବିଶେଷକରି ୨୦ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିକୁ ଅରେଞ୍ଜ ଆଲର୍ଟ ଏବଂ ୧୨ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଥିବା ବେଳେ ୨୧ ତାରିଖରେ ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାର ୬ଟି ଜିଲ୍ଲା ପାଇଁ ଅରେଞ୍ଜ ଏବଂ ୮ଟି ଜିଲ୍ଲା ପାଇଁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ ।

Also Read:- ଆଗାମୀ ୩୬ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ ! ଶକ୍ତି ବଢ଼ାଇବ କି ବାତ୍ୟା ‘ଅକଭାନ୍’?

ସମ୍ଭାବ୍ୟ ବିପଦକୁ ଦୃଷ୍ଟିରେ ରଖି ଆସନ୍ତା ୧୮ରୁ ୨୦ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀ ମାନଙ୍କୁ ସମୁଦ୍ର ମଧ୍ୟକୁ ନଯିବାକୁ ପରାମର୍ଶ ଦିଆଯିବା ସହ ଓଡ଼ିଶାର ସମସ୍ତ ବନ୍ଦର ପାଇଁ ୨ ନମ୍ବର ଦୂରବର୍ତ୍ତୀ ସତର୍କ ସୂଚନା ଜାରି କରାଯାଇଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି କହିଛନ୍ତି ।