ପୁରୀ ୧୬।୧୦ : ଆସନ୍ତା ୨୪ ତାରିଖରେ ପୁରୀ ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ପୁରୀ ଜିଲ୍ଲା ଓ ପୋଲିସ ପ୍ରଶାସନ ପକ୍ଷରୁ ଜୋରଦାର ପ୍ରସ୍ତୁତି ଚାଲିଛି।
ଜିଲ୍ଲାପାଳଙ୍କ ସୂଚନା ଅନୁଯାୟୀ ରାଷ୍ଟ୍ରପତି ପ୍ରଥମେ ଶ୍ରୀମନ୍ଦିର ଆସି ମହାପ୍ରଭୁଙ୍କ ଦର୍ଶନ କରିବା ପରେ ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟ ହୀରକ ଜୟନ୍ତୀରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ। ଏଥିପାଇଁ ସମସ୍ତ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଥିବା ବେଳେ ଜିଲ୍ଲା ପ୍ରଶାସନ ପକ୍ଷରୁ ମଧ୍ୟ ସମସ୍ତ ବ୍ୟବସ୍ଥା ଗ୍ରହଣ କରାଯାଇଛି।
ସେପଟେ ପୁରୀ ଏସପି ବିନୀତ ଅଗ୍ରୱାଲ ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟ ଯାଇ ସେଠାରେ ସୁରକ୍ଷା ବ୍ୟବସ୍ଥା ସହ ଅନ୍ୟାନ୍ୟ ବ୍ୟବସ୍ଥାର ମଧ୍ୟ ସମୀକ୍ଷା କରିଛନ୍ତି। ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ପୋଲିସ ପ୍ରଶାସନ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାରେ ଯେଭଳି କୌଣସି ତ୍ରୁଟି ନ ରୁହେ ସେନେଇ ସମସ୍ତ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ପୁରୀ ଏସପି।
ଏପଟେ ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟ ହୀରକ ଜୟନ୍ତୀ ପାଳନ କରିବା ପାଇଁ ଜୋରଦାର ପ୍ରସ୍ତୁତି ଚଳାଇ ଥିବାବେଳେ ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ଉତ୍ସାହିତ ହୋଇପଡିଛନ୍ତି କଲେଜର ଅଧ୍ୟକ୍ଷ ଓ ଛାତ୍ରଛାତ୍ରୀ। ପ୍ରଥମଥର ପାଇଁ ରାଷ୍ଟ୍ରପତି ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟକୁ ଆସୁଥିବାରୁ ତାଙ୍କୁ ସ୍ବାଗତ କରିବା ପାଇଁ କଲେଜ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି ବୋଲି କହିଛନ୍ତି କଲେଜ ଅଧ୍ୟକ୍ଷ।