ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ
22/03/2023 at 8:15 AM

ପୁରୀ ୨୨।୦୩ : ବୁଧବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏହି ବିଶେଷ ନୀତି ପାଇଁ ଭକ୍ତମାନେ ପ୍ରାୟ ୪ଘଣ୍ଟା ଲାଗି ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ । ଅପରାହ୍ନ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ଠାକୁରଙ୍କ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ରହିଛି ।
ଖବର ଅନୁଯାୟୀ, ଦ୍ଵିତୀୟ ଭୋଗ ମଣ୍ଡପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭୁଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ। ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯିବ। ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଆଦି ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଚମକିବ। ଏହା ଏକ ଗୁପ୍ତ ସେବା ନୀତି । ତେଣୁ ଆଜି ଅପରାହ୍ନ ୫ ଟାରୁ ରାତି ୯ ଟା ପର୍ଯ୍ଯନ୍ତ ପ୍ରାୟ ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ବନକଲାଗି ନୀତି ପରେ ମହାପ୍ରଭୁଙ୍କ ମହାସ୍ନାନ କରାଯିବା ପରେ ପୁଣି ସର୍ବସାଧାରଣ ଦର୍ଶନ ଅନୁଷ୍ଠିତ ହେବ।