ପବିତ୍ର ମାଘ ପୂର୍ଣ୍ଣିମା, ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ଗଜଉଦ୍ଧାରଣ ବେଶ

Published By : Prameya-News7 Bureau | February 05, 2023 IST

ପୁରୀ ୦୫।୦୨ : ଆଜି ପବିତ୍ର ମାଘ ପୁର୍ଣିମା ଅବସରରେ ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ଗଜଉଦ୍ଧାରଣ ବେଶ ଅନୁଷ୍ଠିତ ହେବ। ଏହି ବେଶରେ ମହାପ୍ରଭୁ ଶ୍ରୀଜଗନ୍ନାଥ ଚତୁର୍ଭୁଜ ହୋଇ ଶଙ୍ଖ, ଚକ୍ର, ଗଦା ଓ ପଦ୍ମ ଧାରଣ କରି ଗରୁଡ ଉପରେ ବସିବା ଭଙ୍ଗୀରେ ଥାଇ ଲକ୍ଷ୍ମୀ ପ୍ରତିମାଙ୍କୁ କୋଳରେ ଧାରଣ କରିବେ। ଶ୍ରୀବଳଭଦ୍ର ଚତୁଃହସ୍ତରେ ଶଙ୍ଖ, ଚକ୍ର, ହଳ, ମୁଷଳ ଧାରଣ କରି ବାସୁଦେବଙ୍କ ରୂପରେ ବିରାଜମାନ କରିବେ। 

ସେହିପରି ଦେବୀ ସୁଭଦ୍ରା ଶ୍ରୀକୃଷ୍ଣଙ୍କ ସଦୃଶ ପାଦ ଛନ୍ଦି ଏକ ପଦ୍ମ କଢ଼ ଧରି ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେବେ। ମଧ୍ୟାହ୍ନ ଧୂପ ପରେ ଶ୍ରୀମନ୍ଦିର ରତ୍ନସିଂହାସନ ଉପରେ ମହାପ୍ରଭୁଙ୍କ ଏହି ବେଶ ଅନୁଷ୍ଠିତ ହେବ। ସନ୍ଧ୍ୟା ଧୂପରେ ଠାକୁରଙ୍କୁ କ୍ଷୀରି ଓ ଅମାଲୁ ଭୋଗ କରାଯିବ । ପୌରାଣିକ କଥା ବସ୍ତୁ ଅନୁଯାୟୀ ଏକଦା ବରୁଣ ହ୍ରଦରେ ଗଜରାଜ ସ୍ନାନ କରୁଥିବା ବେଳେ କୁମ୍ଭୀର ତାଙ୍କୁ ଆକ୍ରମଣ କରିଥିଲା। ଗଜରାଜ କ୍ଷତବିକ୍ଷତ ଅବସ୍ଥାରେ ବିକଳ ହୋଇ ଉଦ୍ଧାର ପାଇଁ ଭଗବାନଙ୍କୁ ପ୍ରାର୍ଥନା କରିଥିଲେ।‌ ଭକ୍ତର ଡାକ ଶୁଣି ଠାକୁର କୁମ୍ଭୀର କବଳରୁ ଗଜରାଜଙ୍କୁ ଉଦ୍ଧାର କରିଥିଲେ। ସେହି ସ୍ମୃତିରେ ଶହଶହ ବର୍ଷ ଧରି ଠାକୁରଙ୍କ ଏହି ଗଜଉଦ୍ଧାରଣ ବେଶ ଶ୍ରୀମନ୍ଦିରରେ  ଅନୁଷ୍ଠିତ ହୋଇ ଆସୁଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.