ଭୁବନେଶ୍ୱର ୧୨।୦୮ : ଆଜିଠୁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା। କୋରାପୁଟ ଓ ମାଲକାନଗିରିରେ ପ୍ରବଳ ବର୍ଷିବ। ଦକ୍ଷିଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ଭାରୀ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।
ମଙ୍ଗଳବାର ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, ଗଞ୍ଜାମ, ଗଜପତି ଓ କନ୍ଧମାଳ ଜିଲ୍ଲାରେ ଭାରୀ ବର୍ଷା ହୋଇପାରେ । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼ ସମେତ ପଶ୍ଚିମ ଓଡ଼ିଶାର ଅଧିକାଂଶ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଅଛି।
୧୩ ତାରିଖ (ବୁଧବାର) ଉତ୍ତର ପଶ୍ଚିମ ଓ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇପାରେ। ଏହା ପ୍ରଭାବରେ ଆହୁରି ବର୍ଷିବ। ମାଲକାନଗିରି ଓ କୋରାପୁଟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, ରାୟଗଡ଼ା, ଗଜପତି ଓ ଗଞ୍ଜାମରେ ଭାରୀ ବର୍ଷା ହେବ। ଉପକୂଳ ଓଡ଼ିଶା ଓ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ।
୧୪ ତାରିଖ (ଗୁରୁବାର) ମାଲକାନଗିରି, କୋରାପୁଟ ଓ ନବରଙ୍ଗପୁରରେ ପ୍ରବଳ ବର୍ଷା ଆଶଙ୍କା ଅଛି । ଉତ୍ତର ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ବି ଭଲ ବର୍ଷା ହେବ। ୧୫ ତାରିଖରେ ବି ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ହୋଇପାରେ। ସୋମବାର ଦାରିଙ୍ଗିବାଡ଼ିରେ ୧୨ମିମି ବର୍ଷା ହୋଇଛି । ଭୁବନେଶ୍ୱରରେ ୯.୪ ଓ ପାରଳାଖେମୁଣ୍ଡିରେ ୮ମିମି ବର୍ଷା ରେକର୍ଡ ହୋଇଛି।