ଭୁବନେଶ୍ୱର: ଆଜି ଚୈତ୍ର ଶୁକ୍ଳ ନବମୀ ତିଥି । ପବିତ୍ର ରାମ ନବମୀ । ଧରାବତରଣ କରିଥିଲେ ମର୍ଯ୍ୟାଦା ପୁରୁଷ ପ୍ରଭୁ ଶ୍ରୀରାମଚନ୍ଦ୍ର । ​​​​​​​ପୁରପଲ୍ଲୀ ସବୁଠି ପରମ ପୁରୁଷ ଶ୍ରୀ ପୁରୁଷୋତ୍ତମଙ୍କର ଚାଲିଛି ପୂଜାର୍ଚ୍ଚନା । ବ୍ରତ, ଉପବାସ କରି ପ୍ରଭୁଙ୍କୁ ପୂଜା କରୁଛନ୍ତି ଶ୍ରଦ୍ଧାଳୁ । ପ୍ରତି ଶ୍ରୀରାମ ମନ୍ଦିରରେ ପ୍ରବଳ ଭିଡ଼ । ଆଜିର ଦିନ ପ୍ରଭୁ ଶ୍ରୀରାମଙ୍କ ଆଦର୍ଶକୁ ମନେ ପକାଇବାର ଦିନ । ତାଙ୍କ ଆଦର୍ଶ , ତ୍ୟାଗକୁ ଅନୁସରଣ କରି ଜୀବନକୁ ପରିପୂର୍ଣ୍ଣତା ଆଡ଼କୁ ନେଇଯିବାର ଦିନଟିଏ ।

ଶ୍ରୀରାମଙ୍କ ଚରିତ ବର୍ଣ୍ଣିତ ରାମାୟଣ ସମାଜ ପାଇଁ ଏକ ବଡ଼ ମାର୍ଗଦର୍ଶକ । ସୃଷ୍ଟିର ସୁରକ୍ଷା ପାଇଁ ତାଙ୍କ ମାୟା ସମସ୍ତଙ୍କୁ ଅଗୋଚର । ସାରା ସମାଜକୁ ଶୃଙ୍ଖଳିତ କରିବାକୁ ଯୁଗେ ଯୁଗେ ପ୍ରଭୁ ନିଜେ ସବୁ କଷ୍ଟକୁ ବରଣ କରିଛନ୍ତି। ନିରବରେ ସବୁ ସହିଛନ୍ତି । ଗୁରୁକୂଳରୁ ଫେରିବା ପରେ ପରେ ବଣକୁ ଯାଇ ରାକ୍ଷାସଙ୍କୁ ବଦ୍ଧ କଲେ । ଉଦ୍ଦେଶ୍ୟ ଥିଲା ସନ୍ଥଜନଙ୍କ ସୁରକ୍ଷା ।

ଚୈତ୍ର ଶୁକ୍ଳ ନବମୀ ରାମ ନବମୀ ରୂପେ ପରିଚିତ । ଏହି ଦିନ ରାମଚନ୍ଦ୍ରଙ୍କ ଜନ୍ମୋତ୍ସବ ପାଳନ କରାଯାଏ । ତ୍ରେତୟା ଯୁଗରେ ଅଯୋଧ୍ୟାର ରାଜା ଥିଲେ ଦଶରଥ । ତାଙ୍କର ତିନିରାଣୀ କୌଶଲ୍ୟା, କୈକେୟୀ ଓ ସୁମିତ୍ରା । ରାଜାଙ୍କର ବଡଦୁଃଖ ଥିଲା ଯେ ତାଙ୍କର କୌଣସି ସନ୍ତାନ ନ ଥିଲେ ମହାନ ଇକ୍ଷାକୁ କୁଳରେ ଉତ୍ତରାଧିକାରୀ ହେବାକୁ । କୁଳଗୁରୁ ବଶିଷ୍ଠ ପ୍ରାର୍ଥିତ ସନ୍ତାନ ପ୍ରାପ୍ତି ନିମନ୍ତେ ଋଷିଶୃଙ୍ଗଙ୍କଦ୍ୱାରା ପୁତ୍ରେଷ୍ଟି ଯଜ୍ଞ କରିବାକୁ ଦଶରଥଙ୍କୁ ଉପଦେଶ ଦେଲେ । ରାଜା କୁଳଗୁରୁ ଉପଦେଶ ଅନୁସାରେ ମହାନ୍ ଋଷି ଋଷିଶୃଙ୍ଗଙ୍କୁ ଅଯୋଧ୍ୟାରେ ଯଜ୍ଞ କରିବାକୁ ତାଙ୍କ ଆଶ୍ରମକୁ ଯାଇ ପ୍ରାର୍ଥନା କଲେ ।

ବଶିଷ୍ଠ ଓ ଋଷିଶୃଙ୍ଗଦ୍ୱାରା ପୁତ୍ରେଷ୍ଟି ଯଜ୍ଞ ସମାପନ ପରେ ଯଜ୍ଞେଶ୍ୱର ଯଜ୍ଞକୁଣ୍ଡରୁ ଆବିର୍ଭୁତ ହୋଇ ଦଶରଥଙ୍କୁ ଏକ ଚରୁଅନ୍ନପୂର୍ଣ୍ଣ ପାତ୍ର ପ୍ରଦାନ କରି ରାଣୀମାନଙ୍କୁ ସେବନ କରିବାକୁ କହିଲେ । ଦଶରଥ ଅଧା ଚରୁଅନ୍ନ କୌଶଲ୍ୟାଙ୍କୁ ଓ ଅନ୍ୟଅଧା ଭାଗକୁ କୈକେଇଙ୍କୁ ପ୍ରଦାନ କଲେ । କୌଶଲ୍ୟା ଓ କୈକେୟୀ ନିଜନିଜର ଚରୁଅନ୍ନର ଅଧାଭାଗରୁ କନିଷ୍ଠା ରାଣୀ ସୁମିତ୍ରାଙ୍କୁ ସେବନ କରିବାକୁ ଦେଲେ । ଏହାର କିଛିଦିନ ପରେ ତିନିରାଣୀ ଅନ୍ତଃସତ୍ତ୍ୱା ହେଲେ । ପବିତ୍ର ଚୈତ୍ର ନବମୀଦିନ ଦ୍ୱିପ୍ରହରରେ କୌଶଲ୍ୟା ପ୍ରଭୁ ରାମଚନ୍ଦ୍ରଙ୍କୁ, କୈକେୟୀ ଭରତଙ୍କୁ ଓ ସୁମିତ୍ରା ଯମଜ ସନ୍ତାନ ଲକ୍ଷ୍ମଣ ଓ ଶତ୍ରୁଘ୍ନଙ୍କୁ ଜନ୍ମ ଦେଲେ ।

​​​​​​​Also Read...Ram Temple: ଦକ୍ଷିଣ ଭାରତରେ ରହିଛି ୪ଟି ନିଆରା ରାମ ମନ୍ଦିର, ଯେଉଁଠାରେ ଆଜି ବି ଘଟେ ଚମତ୍କାର

ବିଷ୍ଣୁଙ୍କ ସପ୍ତମ ଅବତାର ପ୍ରଭୁ ରାମଚନ୍ଦ୍ର ସ୍ୱଇଚ୍ଛାରେ ଅଧର୍ମର ବିଲୋପ ଓ ରାବଣ ଆଦି ରାକ୍ଷାସମାନଙ୍କୁ ସଂହାର କରିବାକୁ ପୃଥିବୀପୃଷ୍ଟରେ ଅବତରଣ କରିଥିଲେ । ବୟଃପ୍ରାପ୍ତ ହେବାପରେ ପ୍ରଭୁ ରାମଚନ୍ଦ୍ର ମିଥିଳା ନରେଶ ରାଜର୍ଷି ଜନକଙ୍କ ଦୁହିତା ଦେବୀ ସୀତାଙ୍କ ସହିତ ବିବାହ ହୋଇଥିଲା । ବାଲ୍ମିକୀ ରାମାୟଣ ମତେ ମାର୍ଗଶିର ଶୁକ୍ଳପଞ୍ଚମୀ ଦିନ ସେହି ବିବାହ ଅନୁଷ୍ଠିତ ହୋଇଥିଲା । ରାଜସୁଖକୁ ପରିହାର ପୂର୍ବକ ପିତୃସତ୍ୟ ପାଳନ କରି ଚଉଦ ବର୍ଷ ରାମଚନ୍ଦ୍ର ଦେବୀସୀତା ଓ ଅନୁଜ ଲକ୍ଷ୍ମଣଙ୍କୁ ସାଙ୍ଗରେ ଧରି ବନବାସ ଯାଇଥିଲେ ।

ଅରଣ୍ୟରୁ ଅରଣ୍ୟ ଘୂରିବୁଲୁଥିଲେ ଦୁଃଖ ଯନ୍ତ୍ରଣାକୁ ପାଥେୟ କରି । ଦଣ୍ଡକାରଣ୍ୟରେ ଅବସ୍ଥାନ କାଳରେ ଶ୍ରୀରାମ ଓ ଅନୁଜ ଲକ୍ଷ୍ମଣଙ୍କ ଅନୁପସ୍ଥିତିରେ ଦୁରାଚାରୀ ରାବଣ ମାତା ସୀତାଙ୍କୁ ଏକାକିନୀ ଦେଖି ଅପହରଣ କରିନେଲା । ରାବଣ ଓ ସମସ୍ତ ରାକ୍ଷାସମାନଙ୍କୁ ନିଧନ କରି ସୀତାଙ୍କୁ ଉଦ୍ଧାର ବେଳକୁ ଚଉଦ ବର୍ଷର ବନବାସ ପୂରିଯାଇଥିଲା ।

ଅଯୋଧ୍ୟା ପ୍ରତ୍ୟାବର୍ତ୍ତନ କରି ରାଜସିଂହାସନରେ ଅଭିସିକ୍ତ ହୋଇ ରାଜଧର୍ମ ପାଳନ ଅବସରରେ ପ୍ରଜାକୁଳକୁ ସମ୍ମାନ ଜଣାଇବାକୁ ଯାଇ ଲଙ୍କାରୁ ଉଦ୍ଧାର ସମୟରେ ସୀତା ଅଗ୍ନିପରୀକ୍ଷା ଦେଇଥିଲେ ମଧ୍ୟ ତାଙ୍କୁ ନିର୍ବାସନ ଦଣ୍ଡ ଦେଇଥିଲେ । ଶ୍ରୀରାମଙ୍କ ତାଙ୍କ ଅବତାରରେ ସଂପୂର୍ଣ୍ଣ ମାନବଜୀବନ ଯାପନ କରିଥିଲେ । ରାମନବମୀ ଉପଲକ୍ଷେ ନଅଦିନ ବ୍ୟାପୀ ଭଜନ କୀର୍ତ୍ତନ, ଅଖଣ୍ଡ ପାଠ ଆଦି ଚାଲେ ବିଶେଷ ଭାବରେ ରାମଚରିତ ମାନସ ପାଠ କରାଯାଏ ।