ସୁନା କୂଅର ନାଁ କଣ ? ଯେଉଁଠୁ ଆସେ ୧୦୮ ଗରା ସୁବାଷିତ ଜଳ, ଦିବ୍ୟସ୍ନାନ କରନ୍ତି ତିନିଠାକୁର

Published By : Prameya-News7 Bureau | June 11, 2025 IST

ଭୁବନେଶ୍ୱର ୧୧/୦୬: ଦେବସ୍ନାନ ପୂର୍ଣ୍ଣିମା । ମହାପ୍ରଭୁଙ୍କ ମହାସ୍ନାନ ଯାତ୍ରା । ଜ୍ୟେଷ୍ଠ ମାସ ଶୁକ୍ଲପକ୍ଷ ପୂର୍ଣ୍ଣିମା ତିଥିରେ ଶ୍ରୀକ୍ଷେତ୍ରରେ ହେଉଛି ମହାପ୍ରଭୁଙ୍କ ଦିବ୍ୟସ୍ନାନ । ଆଜି ଶ୍ରୀମନ୍ଦିରର ସ୍ନାନ ମଣ୍ଡପରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ପାରମ୍ପରିକ ରୀତିରେ ବେଦଧ୍ୱନି ପୂର୍ବକ ୧୦୮ କଳସୀ ଜଳରେ ସ୍ନାନ କରାଯିବ । ଆଉ ଏହା ପରେ ଦିଅଁମାନଙ୍କୁ ଗଜାନନ ବେଶରେ ସଜ୍ଜିତ କରାଯିବ। ତେବେ ଆପଣ ଜାଣିଛନ୍ତି ଠାକୁରଙ୍କ ପାଇଁ ପାଣି ଆସୁଥିବା କୂଅର ପ୍ରକୃତ ନାମ କଣ । 

କହିବାକୁ ଗଲେ ଦେବସ୍ନାନ ପୂର୍ଣ୍ଣିମାର ପୂର୍ବ ଦିନ ମହାପ୍ରଭୁଙ୍କ ପାଇଁ ଶ୍ରୀମନ୍ଦିରର ଦେବଯାନ ମାର୍ଗରେ ଅବା ସୁନା କୂଅରୁ ୧୦୮ କଳସ ଜଳ ସଂଗ୍ରହ କରାଯାଏ । ଏହି ସୁନା କୂଅଟି ଶୀତଳା ଠାକୁରାଣୀ ଓ ତାଙ୍କ ବାହାନ ସିଂହଙ୍କ ମଧ୍ୟରେ ଅବସ୍ଥିତ । ପରେ ଏହି କୂଅକୁ ବର୍ଷସାରା ସିଂହ ହିଁ ସୁରକ୍ଷିତ ରଖିଥାଏ । 

କୂଅର ବ୍ୟବହାର ବର୍ଷସାରା ନଥବାରୁ ଜନପଦୀୟ ତାନ୍ତ୍ରିକ ପରମ୍ପରାରେ ଏହି ଜଳକୁ ଅଣତୁଠ ପାଣି ବୋଲି ଗ୍ରହଣ କରାଯାଏ । ସ୍ନାନଲୀଳାରେ ବୈଦିକ ବିଧିରେ ସ୍ନାନ ଜଳ ଅଭିମନ୍ତ୍ରିତ ହେଉଥବା ବେଳେ ସ୍ଥାନ କାଳରେ ତାନ୍ତ୍ରିକ ବିଧିରେ ତେରଟି ପଦାର୍ଥ ମିଶ୍ରଣ କରାଯାଏ । ଯଜ୍ଞ ପରମ୍ପରାରେ ଏହି କୂଅକୁ ‘ପ୍ରଣୀତାକୂପ’ ବୋଲି କୁହାଯାଏ ।

ପ୍ରକୃତରେ ଜଗନ୍ନାଥଙ୍କ ପାଇଁ ୩୫ ଗରା, ବଳଭଦ୍ରଙ୍କ ୩୩ ଗରା, ସୁଭଦ୍ରାଙ୍କ ପାଇଁ  ୨୨ ଗରା, ସୁଦର୍ଶନଙ୍କ ପାଇଁ  ୧୮ ଗରା ଜଳରେ ଗାଧୋଇଥାନ୍ତି । ୧୦୮ ଗରା ଜଳରେ ଅଷ୍ଟବନ୍ଧ, କୃଷ୍ଣ-ଅଗୁରୁ,  ଉଶୀର, ଗୋରଚନା, ଦେବଦାରୁ, ମୁଥା, ହରିତାଳ, ବାହାଡ଼ା, ଆମଳକୀ, ସଞ୍ଚିଷ୍ଠା, ତାମ୍ରପର୍ଣ୍ଣୀ, ସୋମପର୍ଣ୍ଣୀ ଓ ଲୋଧା ମିଶ୍ରତ କରାଯାଏ । 

ଏହି ମହୌଷଧି ମିଶ୍ରଣ କରାଯିବା ପରେ ଜଳକୁ ଅଭିମନ୍ତ୍ରିତ କରାଯାଏ । ସେହି ଗନ୍ଧଯୁକ୍ତ ଅଭିମନ୍ତ୍ରିତ ଜଳରେ ଦାରୁବ୍ରହଙ୍କୁ ଶ୍ରୀଜୀଉମାନଙ୍କୁ ୧୦୮ ଗରା ଜଳରେ ସ୍ନାନ କରାଯାଏ । ଏହି ଜଳରୁ ୩୫ ଗରା ଜଗନ୍ନାଥଙ୍କୁ, ୩୩ ଗରା ବଳଭଦ୍ରଙ୍କୁ, ୨୨ ଗରା ସୁଭଦ୍ରାଙ୍କୁ ଓ ୧୮ ଗରା ସୁଦର୍ଶନଙ୍କୁ ସ୍ନାନ କରାଯାଏ । ଏହାକୁ “ପ୍ରତ୍ୟେକ୍ଷ ଅବକାଶ” କହନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.