ସମ୍ଭାବ୍ୟ ବାତ୍ୟା ପାଇଁ ରାଜ୍ୟସ୍ତରୀୟ ପ୍ରସ୍ତୁତି ବୈଠକ; ବାତ୍ୟା-ଋତୁ ପାଇଁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦେଲେ ମୁଖ୍ୟ ଶାସନ ସଚିବ

Published By : Prameya-News7 Bureau | October 10, 2022 IST

ଭୁବନେଶ୍ୱର ୧୦/୧୦: ଓଡ଼ିଶାର ଭୌଗୋଳିକ ସ୍ଥିତି ଓ ଜଳବାୟୁ ସବୁବେଳେ ବନ୍ୟା, ବାତ୍ୟା ପ୍ରବଣ ହୋଇ ରହିଛି। ଚଳିତ ମାସରୁ ଫେରନ୍ତା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରଭାବରେ (ବିଶେଷତଃ ଅକ୍ଟୋବର ଓ ନଭେମ୍ବର ମାସ) ଓଡ଼ିଶାରେ ଭୀଷଣ ବାତ୍ୟା ଅନୁଭୁତ ହୁଏ। ବେଳେବେଳେ ଏହି ସମୟ ଅବଧି ଡିସେମ୍ବର ୧୫ ପର୍ଯ୍ୟନ୍ତ ମଧ୍ୟ ରହିଥାଏ।ଏସବୁକୁ ବିଚାରକରି ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର “ବାତ୍ୟା-ଋତୁ ପାଇଁ ପୂର୍ଣ୍ଣ ପ୍ରସ୍ତୁତ ରହିବାକୁ ସମ୍ପୃକ୍ତ ବିଭାଗମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି”। ନିର୍ଦ୍ଧାରିତ ଏସ.ଓ.ପି. ଅନୁସାରେ ଆବଶ୍ୟକୀୟ ପଦାର୍ଥ, ଯନ୍ତ୍ରପାତି, ଉପକରଣ ଏବଂ ମାନବସମ୍ବଳ ଆଦିର ମାନଚିତ୍ର ପ୍ରସ୍ତୁତ ସହ ସେସବୁକୁ ପୂର୍ଣ୍ଣ କର୍ମକ୍ଷମ ରଖିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ସୋମବାର ରାଜ୍ୟସ୍ତରୀୟ ବାତ୍ୟା ପ୍ରସ୍ତୁତି ବୈଠକରେ ଅଧ୍ୟକ୍ଷତା କରି ସୁରେଶ ମହାପାତ୍ର ଏହି ନିର୍ଦ୍ଦେଶ ଦେଇଛନ୍ତି।

ରାଜ୍ୟ ଲୋକସେବା ଭବନ ସଭାଗୃହରେ ଅନୁଷ୍ଠିତ ଏହି ବୈଠକରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ ସମ୍ଭାବ୍ୟ ବାତ୍ୟା ମୁକାବିଲା ପ୍ରସ୍ତୁତିର ବିଭିନ୍ନ ଦିଗ ଆଲୋଚନା ପାଇଁ ଉପସ୍ଥାପନ କରିଥିଲେ। ଯେ, ଓଡ଼ିଶାର ବର୍ତ୍ତମାନ ଜଳବାୟୁ ସ୍ଥିତି ବାତ୍ୟା ଅନୁକୂଳ ରହିଛି ହେଲେ ଆସନ୍ତା ୧୫ ଦିନ ଭିତରେ ବାତ୍ୟାର ସୂଚନା ମିଳିନାହିଁ ବୋଲି ଭାରତୀୟ ପାଣିପାଗ ବିଭାଗ ଆଞ୍ଚଳିକ ନିର୍ଦ୍ଦେଶକ ଏଚ୍.ଆର.ବିଶ୍ୱାସ ଜଣାଇଛନ୍ତି।  ବୈଠକର ଆଲୋଚନାରୁ ଜଣାପଡ଼ିଥିଲା ଯେ, ଏହାମଧ୍ୟରେ ଓଡ଼ିଶାରେ ବାତ୍ୟାର ପୂର୍ବାନୁମାନ ଏବଂ ଆଗୁଆ ସତର୍କ ସୂଚନା ପ୍ରସାରଣ ଭିତ୍ତିଭୂମିକୁ ସୁଦୃଢ଼ କରାଯାଇଛି। ଜିଲ୍ଲା ଓ ଅଞ୍ଚଳଭିତ୍ତିକ ପାଣିପାଗ ସୂଚନା ଦିଆଯାଉଛି। ଗୋଟିଏ   ବାତ୍ୟାର ପ୍ରଭାବ ଭିତ୍ତିକ ପୂର୍ବାନୁମାନ ବ୍ୟବସ୍ଥା କରାଯାଇଛି।

ଗୋପାଳପୁର ଓ ପାରାଦ୍ୱୀପରେ ଡପଲର ପାଣିପାଗ ରାଡାର ଷ୍ଟେସନ ସହ ବାଲେଶ୍ୱର, ଚାନ୍ଦବାଲି, ପୁରୀ, ଭୁବନେଶ୍ୱର, ଗୋପାଳପୁର ଏବଂ ପାରାଦ୍ୱୀପ ଆଦି ସ୍ଥାନରେ ଉଚ୍ଚକ୍ଷମତା ସମ୍ପନ୍ନ ବାୟୁଗତି ପରିମାପକ ଯନ୍ତ୍ର ସ୍ଥାପନ କରାଯାଇଛି। ଏହି ଯନ୍ତ୍ର ଘଣ୍ଟାପ୍ରତି ପ୍ରାୟ ୩୦୦ କି.ମି. ପବନ ସ୍ଥିତିରେ ମଧ୍ୟ କାର୍ଯ୍ୟକରିପାରିବ। ଏସବୁ ଆଧୁନିକ ଭିତ୍ତିଭୂମି ସ୍ଥିତିର ପର୍ଯ୍ୟବେକ୍ଷଣ କରିବାସହ ପାଗ ପୂର୍ବାନୁମାନ ଅନୁଶୀଳନରେ ସହାୟକ ହେଉଛି। ବାତ୍ୟାରେ ଟେଲିଫୋନ୍ ଏବଂ ବିଦ୍ୟୁତ ଯୋଗାଣ ବ୍ୟବସ୍ଥା ଅଧିକ କ୍ଷତିଗ୍ରସ୍ତ ହେଉଥିବାରୁ ମୋବାଇଲ୍ ଟେଲିକମ୍-ଟାଓ୍ୱାର, ସାଟେଲାଇଟ୍ ଫୋନ୍ ଜେନେରେଟର, ବିଦ୍ୟୁତ ଖୁଣ୍ଟ, କଣ୍ଡକ୍ଟର, ସବଷ୍ଟେସନ, ଏବଂ ଯଥେଷ୍ଟ ସଂଖ୍ୟକ ମାନବ ସମ୍ବଳ ଆଦିର ଆକଳନ ଏବଂ ଆବଶ୍ୟକ ବେଳେ ତୁରନ୍ତ ନିୟୋଜିତ ପାଇଁ ପ୍ରସ୍ତୁତ ରହିବାକୁ ସୁରେଶ ମହାପାତ୍ର ନିର୍ଦ୍ଦେଶ ଦେଇଛନ୍ତି।

ଏହାଛଡ଼ା ପାନୀୟ ଜଳ ପାଇଁ ଗ୍ରାମ ଓ ସହରାଞ୍ଚଳରେ ଥିବା ହ୍ୟାଣ୍ଡ ପମ୍ପଗୁଡିକୁ କାର୍ଯ୍ୟକ୍ଷମ ରଖିବା ସହ ବାତ୍ୟା  ଅତିକ୍ରାନ୍ତ ହେବା ସଙ୍ଗେସଙ୍ଗେ ପାନୀୟ ଜଳ ଯୋଗାଣ ବ୍ୟବସ୍ଥା କାର୍ଯ୍ୟକ୍ଷମ କରିବାକୁ ପୂର୍ଣ୍ଣ ପ୍ରସ୍ତୁତି ପାଇଁ ନିର୍ଦ୍ଦେଶ  ଦେଇଥିଲେ। ଯଥେଷ୍ଟ ପରିମାଣର ବ୍ଲିଚିଂ, ହେଲୋଜେନ୍ ବଟିକା, ଔଷଧ, ଆମ୍ବୁଲାନସ ଏବଂ ଡ଼ାକ୍ତରୀ ଟିମ୍ ଆଦି  ବିଷୟରେ ପୂର୍ବ ପ୍ରସ୍ତୁତି କରିବାକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଥିଲେ। ଓଡ୍ରାଫ ଏବଂ ଅଗ୍ନିଶମ ସଂସ୍ଥା ଟିମ୍‌ମାନଙ୍କର ସବୁ ଉପକରଣକୁ  ସଠିକ ଭାବେ ଯାଞ୍ଚ କରିବା ପାଇଁ  ମଧ୍ୟ ନିର୍ଦ୍ଦେଶ ଦେଇଥିଲେ। ବାତ୍ୟା ପ୍ରବଣ ଉପକୂଳବର୍ତ୍ତୀ ଗ୍ରାମମାନଙ୍କରେ ବାତ୍ୟା ପ୍ରସ୍ତୁତି ସଚେତନତା କାର୍ଯ୍ୟକ୍ରମ ଜାରି ରଖିବା ସହ ଆସନ୍ନ ପ୍ରସବ, ବୟସ୍କ, ଦିବ୍ୟାଙ୍ଗ, ଅସହାୟମାନଙ୍କର ତାଲିକା ପ୍ରସ୍ତୁତ ରଖିବାକୁ ମହିଳା ଏବଂ ଶିଶୁ ବିକାଶ ବିଭାଗଙ୍କୁ କୁହାଯାଇଥିଲା। ଆବଶ୍ୟକ ବେଳେ ନିରାପଦ ସ୍ଥାନକୁ ସହାୟତା-ଭିତ୍ତିକ ସ୍ଥାନାନ୍ତର କରିବାରେ ଏହି ତାଲିକା ବହୁ ପରିମାଣରେ ଫଳପ୍ରଦ ହେବ।

ତୁରନ୍ତ ଗମନାଗମନ ସୁବିଧାର ପୁନଃସ୍ଥାପନ, ରାସ୍ତା ଓ ନଦୀବନ୍ଧ ମରାମତି, ବାତ୍ୟା ସମୟରେ ଲୁଣାଘେରି ବନ୍ଧର ସୁରକ୍ଷା, ପାନୀୟ ଜଳ, ସହରାଞ୍ଚଳରେ ଉଦବୃତ ବର୍ଷା ଜଳ ନିଷ୍କାସନ, ହସ୍ପିଟାଲ୍ ଗୁଡିକରେ ବିକଳ୍ପ ବିଦ୍ୟୁତ ବ୍ୟବସ୍ଥା, ଗୋଖାଦ୍ୟ ଯୋଗାଣ, ପରିମଳ ବ୍ୟବସ୍ଥା ପାଇଁ କଣ୍ଟିଜେଣ୍ଟ୍ ପ୍ଲାନ୍ ସହ ଆବଶ୍ୟକୀୟ ସାମଗ୍ରୀ ଓ ମାନବ ସମ୍ବଳ, କୃଷକମାନଙ୍କୁ ଉପଯୁକ୍ତ ପରାମର୍ଶ ଓ ସୂଚନା ପ୍ରଦାନ, ଧାନ-କିଣା ମଣ୍ଡିରେ ସଂଗୃହିତ ଧାନର ସୁରକ୍ଷା ଓ ପରିବହନ ଆଦି କାମ ପାଇଁ ପ୍ରସ୍ତୁତ ରହିବାକୁ ମୁଖ୍ୟଶାସନ ସଚିବ ସମ୍ପୃକ୍ତ ବିଭାଗମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ତଦନୁଯାୟୀ କ୍ଷେତ୍ରସ୍ତରୀୟ ଅଧିକାରୀ ଏବଂ କର୍ମଚାରୀମାନଙ୍କୁ ସଜାଗ ରଖିବା ପାଇଁ ମଧ୍ୟ ବିଭାଗମାନଙ୍କୁ କୁହାଯାଇଥିଲା ।  

ଜଙ୍ଗଲ ଓ ପରିବେଶ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଡ଼ଃ ମୋନା ଶର୍ମା, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ଜଳ ସମ୍ପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନସଚିବ ଶ୍ରୀମତୀ ଅନୁ ଗର୍ଗଙ୍କ ସହିତ  ବାତ୍ୟା ପରିଚାଳନା ସହ ସମ୍ପୃକ୍ତ ସମସ୍ତ ବିଭାଗର ପ୍ରମୁଖ ଶାସନ ସଚିବ, ଶାସନ ସଚିବ ଓ ବରିଷ୍ଠ ଅଧିକାରୀମାନେ  ଆବଶ୍ୟକୀୟ  ତଥ୍ୟ  ଉପସ୍ଥାପନ କରିଥିଲେ। ନାଭାଲ୍, ଆର୍ମି, କୋଷ୍ଟଗାର୍ଡ଼ ଓ ଭାରତୀୟ ପାଣିପାଗ ବିଭାଗ ଆଦିର ବରିଷ୍ଠ ଅଧିକାରୀମାନେ ମଧ୍ୟ ବୈଠକରେ ନିଜ ବିଭାଗର ପ୍ରସ୍ତୁତି ଏବଂ ଆବଶ୍ୟକତା ସମ୍ପର୍କିତ ସୂଚନା ଦେଇଥିଲେ। 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.