ରତ୍ନଭଣ୍ଡାର ଗଣତି ମଣତି SOP ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କ ବିସ୍ତୃତ ଆଲୋଚନା, ୧୯୭୮ ମସିହାର ତାଲିକା ସହିତ ହେବ ମେଳକ

NEWS7
suryakumar-has-a-chance-to-join-the-exclusive-club-of-rohit-kohli-and-dhoni

ଭୁବନେଶ୍ୱର: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଶ୍ରୀମନ୍ଦିରର ରତ୍ନଭଣ୍ଡାରରେ ଥିବା ସୁନା ଅଳଙ୍କାର ଓ ମୋତିମାଣିକ୍ୟର ଖୁବ୍ ଶୀଘ୍ର ଗଣତି- ମଣତି ଆରମ୍ଭ ହେବ। ସୋମବାର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଏନେଇ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଛି। ବୈଠକରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢୀ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଏସମ୍ପର୍କରେ ଏକ ବିସ୍ତୃତ ଉପସ୍ଥାପନା ରଖିଥିଲେ।

ସୂଚନାଥାଉକି, ଗଣତି- ମଣତିର ସମସ୍ତ ପୂର୍ବ ପ୍ରକ୍ରିୟା ସମ୍ପୂର୍ଣ୍ଣ ଭାବେ ସମାପ୍ତ ହୋଇଛି। ବାହାର ଓ ଭିତର ରତ୍ନଭଣ୍ଡାରର ସମ୍ପୂର୍ଣ୍ଣ ମରାମତି ଓ ସଂରକ୍ଷଣ କାର୍ଯ୍ୟ ମଧ୍ୟ ସରିଛି। ସମଗ୍ର ପ୍ରକ୍ରିୟା ୯୫ ଦିନରେ ଓ ୩୩୩ ଘଣ୍ଟାର କାମରେ ଭାରତୀୟ ପ୍ରତ୍ନତତ୍ତ୍ୱ ବିଭାଗ ଦ୍ୱାରା ସମ୍ପୂର୍ଣ୍ଣ କରାଯାଇଛି। ବର୍ତ୍ତମାନ ଗଣତି-ମଣତି ପାଇଁ ଶ୍ରୀମନ୍ଦିର ପ୍ରଶାସନ ଓ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି।

ବୈଠକର ହୋଇଥିବା ଆଲୋଚନା ଅନୁସାରେ, ଗଣତି-ମଣତି ପାଇଁ ସମ୍ପୂର୍ଣ୍ଣ ପ୍ରକ୍ରିୟାର SOP ଶ୍ରୀମନ୍ଦିର ପରିଚାଳନା କମିଟି ଦ୍ବାରା ପ୍ରସ୍ତୁତ କରାଯାଇଛି। ସରକାରଙ୍କ ଅନୁମୋଦନ ପରେ ଏହା ଆରମ୍ଭ କରାଯିବ। କଡ଼ା ସୁରକ୍ଷା ମଧ୍ୟରେ ସମ୍ପୂର୍ଣ୍ଣ ସ୍ୱଚ୍ଛତାର ସହ ଏହି ପ୍ରକ୍ରିୟା କାର୍ଯ୍ୟକାରୀ କରାଯିବ।

ଉଲ୍ଲେଖଯୋଗ୍ୟ, ଶେଷ ଥର ପାଇଁ ରତ୍ନଭଣ୍ଡାର ଗଣତି- ମଣତି ପ୍ରକ୍ରିୟା ୧୯୭୮ରେ ହୋଇଥିଲା। ତେଣୁ ବର୍ତ୍ତମାନର ଗଣତିକୁ ୧୯୭୮ର ତାଲିକା ସହିତ ମେଳକ କରାଯାଇ ଚୁଡାନ୍ତ ତାଲିକା ପ୍ରସ୍ତୁତ କରାଯିବ। ସମ୍ପୂର୍ଣ୍ଣ ପ୍ରକ୍ରିୟାର ଫଟୋଗ୍ରାଫି ସହିତ ଡିଜିଟାଲ୍ କାଟାଲଗ୍ ପ୍ରସ୍ତୁତ କରାଯିବ ବୋଲି ବୈଠକରେ ଆଲୋଚନା ହୋଇଛି।

ଆହୁରି ମଧ୍ୟ ବୈଠକରେ ଚଳିତ ବର୍ଷର ରଥଯାତ୍ରାର ପ୍ରସ୍ତୁତି ପ୍ରକ୍ରିୟା ସମ୍ପର୍କରେ ମଧ୍ୟ ଆଲୋଚନା ହୋଇଥିଲା। ମହାପ୍ରଭୁଙ୍କ ରଥଯାତ୍ରା ପାଇଁ ଫାସି କାଠ ଓ ଚନ୍ଦନ କାଠର ବ୍ୟାପକ ଆବଶ୍ୟକତା ରହୁଥିବାରୁ ଏଥିପାଇଁ ବନପ୍ରକଳ୍ପ ଜରିଆରେ ଏହି ଗଛ ଗୁଡିକ ଲଗାଇବା ପାଇଁ ପ୍ରସ୍ତାବ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ।

ବୈଠକରେ ପୂର୍ତ୍ତ ଓ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ପ୍ରକାଶ ମିଶ୍ର, ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶାଶ୍ୱତ ମିଶ୍ର, ଆଇନ ବିଭାଗର ପ୍ରମୁଖ ଶାସନ ସଚିବ ଡ. ପବିତ୍ର ମୋହନ ସାମଲ ଏବଂ ପୁରୀ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡା ପ୍ରମୁଖ ଆଲୋଚନାରେ ଭାଗ ନେଇଥିଲେ।