ଆଜିଠୁ ବଢିବ ବର୍ଷାର ପରିମାଣ, କିଛି ସ୍ଥାନରେ ଘଡ଼ଘଡି ସହ କୁଆପଥର ପଡିବା ସମ୍ଭାବନା

Published By : Prameya-News7 Bureau | April 24, 2020 IST

ଭୁବନେଶ୍ୱର ୨୪।୦୪: ଆଜିଠୁ ରାଜ୍ୟରେ ପ୍ରବଳ ବର୍ଷା ହେବ । ୨୮ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିବ । ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବୃଷ୍ଟି ହେବାର ସମ୍ଭାବନା ରହିଛି । ଅପରପକ୍ଷେ ଗୋଟିଏ ଦୁଇଟି ସ୍ଥାନରେ କୁଆପଥର ପଡିବାର ସମ୍ଭାବନା ରହିଛି ବୋଲି ପାଣିପାଗବିତ୍‌ ପୂର୍ବାନୁମାନ କରିଛନ୍ତି ।

ଶୁକ୍ରବାର ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବା ସହିତ ଘଣ୍ଟା ପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବୋହିବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଏହି ସମୟରେ ସତର୍କ ରହିବା ପାଇଁ କେନ୍ଦ୍ର ପକ୍ଷରୁ ଅରେଞ୍ଜ୍‌ ୱାର୍ଣ୍ଣିଂ ଜାରି କରାଯାଇଛି । ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା, ସୋନପୁର, ବୌଦ୍ଧ, ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଗଞ୍ଜାମ ଓ ଗଜପତି ଜିଲ୍ଲାରେ କାଳବୈଶାଖୀ ବର୍ଷା ହେବ ବୋଲି କେନ୍ଦ୍ର ପୂର୍ବାନୁମାନ କରିଛି । ରାଜ୍ୟର ଅବଶିଷ୍ଟ ସ୍ଥାନରେ କାଳବୈଶାଖୀ ବର୍ଷା ସହ ସତର୍କ ରହିବା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଏଚ୍‌ ଆର୍‌ ବିଶ୍ୱାସ ପୂର୍ବାନୁମାନ କରିଛନ୍ତି, ଶୁକ୍ରବାର ଠାରୁ ରାଜ୍ୟରେ କାଳବୈଶାଖୀ ଜନିତ ବର୍ଷା ବଢ଼ିବ । ସାରା ରାଜ୍ୟରେ ୨୮ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବ । କାଳବୈଶାଖୀ ପ୍ରଭାବରେ ବର୍ଷା ହେବ ବୋଲି ଶ୍ରୀ ବିଶ୍ୱାସ ପୂର୍ବାନୁମାନ କରିଛନ୍ତି । ବର୍ଷା ଯୋଗୁଁ ତାପମାତ୍ରା କମିବ । ମାଲକାନଗିରି ଭଳି କାଁ ଭାଁ ଗୋଟିଏ ଦୁଇଟି ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ସେଲସିୟସ୍‌ ଉପରେ ରହିବ ବୋଲି ସେ ଆକଳନ କରିଛନ୍ତି ।

ସୋଆ ଜଳବାୟୁ ଓ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଡ. ଶରତ ଚନ୍ଦ୍ର ସାହୁ ପୂର୍ବାନୁମାନ କରିଛନ୍ତି ଯେ, ୨୬ ଓ ୨୮ରେ ପ୍ରବଳ ବର୍ଷା ହେବା ସହିତ ମେ ୩ ପର୍ଯ୍ୟନ୍ତ ରାଜ୍ୟରେ ବିଶେଷ ତାପମାତ୍ରା ବଢ଼ିବନି । ତାତିରୁ ମିଳିବ ଆଶ୍ୱସ୍ତି ବୋଲି ସେ ଆକଳନ କରିଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.