LIVE TV

କୁମାରୀ ପାଳୁଛନ୍ତି କୁମାର ପୁନେଇ ଜହ୍ନ ଲୋ...କାର୍ତ୍ତିକଙ୍କ ଭଳି ବର ପାଇବାକୁ ସୂର୍ଯ୍ୟ ସହ ଚାନ୍ଦ ପୂଜା

NEWS7
Kumar purnima

ଭୁବନେଶ୍ୱର ୦୬/୧୦: ​​​​​​କୁମାର ପୂର୍ଣ୍ଣିମା ଓଡ଼ିଶାର ଏକ ବିଶେଷ ପର୍ବ । ଏହା କୁମାରୋତ୍ସବ ବା କୋଜାଗର ପୂର୍ଣ୍ଣିମା ନାମରେ ମଧ୍ୟ ଜଣାଶୁଣା । ଆଶ୍ୱିନ ମାସ ପୂର୍ଣ୍ଣିମା ତିଥିରେ ଏହି ପର୍ବଟି ପାଳିତ ହୁଏ । ଏହି ପୂର୍ଣ୍ଣିମା ଶରତ ଋତୁରେ ପଡ଼ୁଥିବାରୁ କେତେକ ସ୍ଥାନରେ ଏହାକୁ ଶରତ ପୂର୍ଣ୍ଣିମା ମଧ୍ୟ କୁହାଯାଏ । ଏହିଦିନ ଜଗନ୍ମାତା ମା’ ଲକ୍ଷ୍ମୀ ଦେବୀଙ୍କର ଆରାଧନା କରାଯାଉଥିବାରୁ ଏହାକୁ ଗଜଲକ୍ଷ୍ମୀ ପୂଜା ବା କୋଜାଗାର ଲକ୍ଷ୍ମୀ ପୂଜା ମଧ୍ୟ କୁହାଯାଏ ।

ଏହି ଦିନ ଓଡ଼ିଶାବାସୀ ତୁଳସୀ ଚଉରା, ଗଜଲକ୍ଷ୍ମୀ, ଚନ୍ଦ୍ର, ସୂର୍ଯ୍ୟ ଓ କାର୍ତ୍ତିକଙ୍କର ପୂଜା ଆରାଧନା କରି ନିଜର ସୁଖ, ସୌଭାଗ୍ୟ, ଯଶ, ଧନ ଓ ପୌରୁଷ କାମନା କରିଥାନ୍ତି । ଓଡ଼ିଶାରେ ଏହି ପର୍ବ ସାଧାରଣତଃ କୁମାରୀ କନ୍ୟାମାନେ କାର୍ତ୍ତିକେୟଙ୍କ ଭଳି ସୁନ୍ଦର ଜୀବନସାଥୀ ପାଇବା ପାଇଁ କରିଥାନ୍ତି । ତେବେ ମହାରାଷ୍ଟ୍ର, ପଶ୍ଚିମ ବଙ୍ଗ, ଗୁଜରାଟ ଭଳି ଭାରତର ଅନ୍ୟାନ୍ୟ ରାଜ୍ୟରେ ସ୍ତ୍ରୀ ପୁରୁଷ ନିର୍ବିଶେଷରେ ସମସ୍ତେ ଏହି ପର୍ବକୁ ପାଳନ କରିଥାନ୍ତି ।

ଏହି ଦିନ ଚନ୍ଦ୍ର ପୃଥିବୀର ନିକଟତମ ସ୍ଥିତିରେ ଥାଏ ଏବଂ ଚନ୍ଦ୍ର କିରଣ ମଣିଷର ସ୍ୱାସ୍ଥ୍ୟ ଓ ଚିନ୍ତାଧାରା ଉପରେ ସକରାତ୍ମକ ପ୍ରଭାବ ପକାଇଥାଏ ବୋଲି ବିଶ୍ୱାସ ରହିଛି । ତେଣୁ ଏହି ଦିନଟିକୁ ଭାରତର ବିଭିନ୍ନ ପ୍ରାନ୍ତରେ ଖୁବ୍ ଆଡ଼ମ୍ବର ସ‌ହକାରେ ପାଳନ କରାଯାଇଥାଏ । ଏହି ଦିନ କୁମାରୀମାନେ ସୁନ୍ଦର ବର ପାଇବା ଉଦ୍ଦେଶ୍ୟରେ କାର୍ତ୍ତିକେୟଙ୍କୁ ଆରାଧନା କରିବା ସ‌ହ ଚନ୍ଦ୍ର ପୂଜା ମଧ୍ୟ କରିଥାନ୍ତି । ଏହା ସ‌ହ ସେମାନେ ସନ୍ଧ୍ୟା ସମୟରେ ତୁଳସୀ ଚଉରା ଆଗରେ ବନ୍ଦାପନା ମଧ୍ୟ କରିଥାନ୍ତି ।

ପୁରାଣରେ କଥିତ ଅଛି ଯେ ତୁଳସୀ ଦେବୀ ଜଣେ ପରମ ପତିବ୍ରତା ନାରୀ ଥିଲେ । ତାଙ୍କର ପତିବ୍ରତା ଗୁଣ ଯୋଗୁଁ ହିଁ ତାଙ୍କୁ ବୃକ୍ଷ ରୂପରେ ପୂଜା ପାଇବାର ବର ମିଳିଥିଲା । ଯୁଗେ ଯୁଗେ କୁମାରୀମାନେ ଉତ୍ତମ ବର ପାଇବା ପାଇଁ ଓ ବିବାହିତା ନାରୀମାନେ ନିଜ ସ୍ୱାମୀଙ୍କ ସୁଖ ସମୃଦ୍ଧି ପାଇଁ ଚଉରା ପୂଜା କରି ଆସିଛନ୍ତି । ତେଣୁ କୁମାର ପୂର୍ଣିମାରେ ମଧ୍ୟ ଚଉରା ପୂଜା କରାଯାଇଥାଏ ।

ସେହିପରି ଭଗବାନ ଶିବଙ୍କର ପୁଅ କାର୍ତ୍ତିକେୟ ଈଶ୍ୱରମାନଙ୍କ ମଧ୍ୟରେ ସବୁଠାରୁ ସୁନ୍ଦର ବୋଲି ପୁରାଣରେ କଥିତ ଅଛି । ସେ ଏହି ଦିନ ତାଡ଼କାସୁର ସ‌ହିତ ଯୁଦ୍ଧ ଆରମ୍ଭ କରିଥିଲେ । ତାଡ଼କାସୁରକୁ ପରାଜିତ କରିଥିବାରୁ ତାଙ୍କୁ ଯୁଦ୍ଧର ଦେବତା ଭାବେ ମଧ୍ୟ ଜଣାଯାଏ । ତେବେ ଏହି ପର୍ବରେ କାର୍ତ୍ତିକେୟଙ୍କ ପାଇଁ କୌଣସି ବିଶେଷ ପୂଜା ବିଧି ନାହିଁ ।
​​​​​​​