ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ କମଳା ଦାସଙ୍କ ପରଲୋକ, ୭୯ ବର୍ଷ ବୟସରେ କଟକରେ ଦେହାନ୍ତ

Published By : Prameya-News7 Bureau | April 12, 2024 IST

କଟକ ୧୨/୦୪: ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ କମଳା ଦାସଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ । ଭୋଗରାଇ ପୂର୍ବତନ ବିଧାୟକ ତଥା ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ ହେଉଛନ୍ତି କମଳା ଦାସ । ଦୀର୍ଘଦିନ ହେବ ସ୍ୱାସ୍ଥ୍ୟଜନିତ ସମସ୍ୟାରୁ ମେଡିକାଲରେ ଭର୍ତ୍ତି ହୋଇଥିଲେ ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ କମଳା ଦାସ । ଆଉ ଆଜି ତାଙ୍କର ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଛି । 

୧୯୪୫ରେ ଜନ୍ମିତ କମଳା ଦାସ ଜଣେ ଦକ୍ଷ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଜନତା ଦଳର ଜଣେ କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ମାତ୍ର ପରବର୍ତ୍ତୀ ସମୟରେ ବିଜୁ ଜନତା ଦଳର ଗଠନ ପରେ ସେ ବିଜେଡ଼ିରେ ଯୋଗ ଦେଇଥିଲେ । ପରେ ବିଜେଡ଼ି ଛାଡ଼ି ଭାରତୀୟ ଜାତୀୟ କଂଗ୍ରେସରେ ଯୋଗ ଦେଇଥିଲେ । 

୨୦୧୪ ମସିହାରେ ପୁଣି କଂଗ୍ରେସ ଛାଡ଼ି ବିଜେଡ଼ିରେ ଯୋଗ ଦେଇଥିଲେ । କମଳା ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟିକା ଭାବରେ କାର୍ଯ୍ୟ କରିବା ସହ ଜଣେ ମନ୍ତ୍ରୀ ଭାବରେ ମଧ୍ୟ କାର୍ଯ୍ୟ କରିଥିଲେ । କମଳା ୧୯୯୦ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ଭୋଗରାଇ ବିଧାନସଭା ନିର୍ବାଚନ ମଣ୍ଡଳୀରୁ ଜନତା ଦଳର ପ୍ରତିନିଧି ଭାବରେ ନିର୍ବାଚନରେ ବିଜୟୀ ହୋଇ ୧୦ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।  

ଏହାପରେ ସେ ୧୯୯୫ ଓଡ଼ିଶା ବିଧାନ ସଭା ନିର୍ବାଚନରେ ପୁଣିଥରେ ଜନତା ଦଳର ପ୍ରତିନିଧି ଭାବରେ ଭୋଗରାଇ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ବିଜୟୀ ହୋଇ ୧୧ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ପରେ ସେ ବିଜୁ ଜନତା ଦଳର ପ୍ରତିନିଧି ଭାବରେ ୨୦୦୦ ମସିହାରେ ଭୋଗରାଇ ବିଧାନ ସଭା ନିର୍ବାଚନ ମଣ୍ଡଳୀ ଆସନରୁ ୧୨ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । କମଳା ୧୦ମ ଓଡ଼ିଶା ବିଧାନ ସଭାରେ ବିଜୁ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡଳରେ ୧୯୯୦ରୁ ୧୯୯୫ ଯାଏଁ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ଏବଂ ପୁଣିଥରେ ୧୨ଶ ଓଡ଼ିଶା ବିଧାନ ସଭାରେ ନବୀନ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡଳରେ ଜଣେ ମନ୍ତ୍ରୀ ଭାବରେ ୨୦୦୦ ମସିହାରୁ ୨୦୦୧ ମସିହାଯାଏଁ କାର୍ଯ୍ୟ କରିଥିଲେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.