ଭୁବନେଶ୍ୱର ୨୩।୦୭ : ୨୩ ତାରିଖରେ ଉତ୍ତର ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ୨୪ ତାରିଖ ବା ଗୁରୁବାର ଏହା ଲଘୁଚାପରେ ପରିଣତ ହେବ । ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ୨୮ ତାରିଖ ଯାଏ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।
ବୁଧବାରଠାରୁ ବର୍ଷା ଆରମ୍ଭ ହୋଇଯିବ। କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଓ ନୂଆପଡ଼ାରେ ପ୍ରବଳ ବର୍ଷା ହୋଇପାରେ। ଗୁରୁବାର ମୟୂରଭଞ୍ଜ ଓ ବାଲେଶ୍ୱରରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ଅଛି । ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଢେଙ୍କାନାଳ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼ ଓ ଅନୁଗୁଳରେ ପ୍ରବଳ ବର୍ଷା ହୋଇପାରେ । ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ବରଗଡ଼, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ୨୫ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର ଓ ଭଦ୍ରକରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ଅଛି । ୨୬ ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ ସମ୍ବଲପୁର, କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଓ କଳାହାଣ୍ଡିରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ୨୭ ଓ ୨୮ ତାରିଖରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ମଙ୍ଗଳବାର କୋରାପୁଟରେ ସର୍ବାଧିକ ୬୦ମିମି ବର୍ଷା ହୋଇଛି । ଚାନ୍ଦବାଲିରେ ୧୭ମିମି ଓ ଖୋର୍ଦ୍ଧାରେ ୭ମିମି ବର୍ଷା ରେକର୍ଡ ହୋଇଛି। ସୋଆ ପରିବେଶ ଓ ଜଳବାୟୁ କେନ୍ଦ୍ର ଆକଳନ କରି କହିଛି, ଉତ୍ତର ବଙ୍ଗୋପସାଗରରେ ହେବାକୁ ଥିବା ଲଘୁଚାପ ଗୁରୁବାର ବା ଶୁକ୍ରବାର ରାତିରେ ଅଧିକ ଘନୀଭୂତ ହୋଇ ଝାଡ଼ଖଣ୍ଡ ଓ ଉତ୍ତର ଛତିଶଗଡ଼ ଆଡକୁ ମୁହାଁଇବ । ଲଘୁଚାପ ପ୍ରଭାବରେ ୨୬ ତାରିଖ ଯାଏ ବିଭିନ୍ନ ସ୍ଥାନରେ ଅଧିକ ବର୍ଷା ହୋଇପାରେ ।