୨୪ ଘଣ୍ଟାରେ ଲଘୁଚାପ ବଳୟ, ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

Published By : Prameya-News7 Bureau | July 04, 2022 IST

ନୂଆଦିଲ୍ଲୀ ୦୪/୦୭: ଆଗାମୀ ୨୪ ଘଣ୍ଟା ମଧ୍ୟରେ ଓଡିଶାର ଉତ୍ତର ଏବଂ ତାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ବଙ୍ଗଳାଦେଶ ଏବଂ ତାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ବାୟୁମଣ୍ଡଳରେ ସମୁଦ୍ର ପତ୍ତନ ଠାରୁ ୭.୬ କିମି ଉଚ୍ଚତା ଯାଏଁ ବ୍ୟାପିଛି । ଯାହାର ପ୍ରଭାବରେ ଆସନ୍ତା ୩ ଦିନ ପ୍ରବଳ ବର୍ଷିବ ବୋଲି ଅନୁମାନ କରିଛି ପାଣିପାଗ ବିଭାଗ । ଏହାସହ ଅରେଞ୍ଜ ୱାର୍ଣ୍ଣିଂ ମଧ୍ୟ ଜାରି ହୋଇଛି।

ଓଡ଼ିଶାର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ କରାଯାଇଛି । ସୋମଠାରୁ ୫ତାରିଖ ଯାଏ ରାଜ୍ୟର ବିଭିନ୍ନ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସୋମବାର ଭଦ୍ରକ, ଯାଜପୁର, ଢେଙ୍କାନାଳ, କେନ୍ଦୁଝର, ଅନୁଗୁଳ, ଦେବଗଡ଼, ସମ୍ୱଲପୁର ଓ ବରଗଡ଼ ଜିଲ୍ଲାର କିଛି କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହିସବୁ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ସୁନ୍ଦରଗଡ଼, ଝାରସୁଗୁଡ଼ା, ମୟୂରଭଞ୍ଜ, ବାଲେଶ୍ୱର, କଟକ, ସୋନପୁର, ବୌଦ୍ଧ, କନ୍ଧମାଳ, ଦେବଗଡ଼, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ୪ ତାରିଖ ଦିନ ଢେଙ୍କାନାଳ, ଯାଜପୁର, ଭଦ୍ରକ, କଟକ, ଅନୁଗୁଳ, ନୟାଗଡ଼ ଓ କନ୍ଧମାଳ ଜିଲ୍ଲାରେ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.