ଆସୁଛି ଆଉ ଏକ ଲଘୁଚାପ : ଦୁଇ ଦିନ ପ୍ରବଳ ବର୍ଷା ସମ୍ଭାବନା, ୧୭ ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ

Published By : Prameya-News7 Bureau | August 18, 2022 IST

ଭୁବନେଶ୍ୱର ୧୮।୦୮:  ଓଡ଼ିଶାକୁ ପୁଣି ମାଡ଼ି ଆସୁଛି ବର୍ଷା। ଦକ୍ଷିଣ ମିଆଁମାର ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଅଧିକ ଘନୀଭୂତ ହୋଇ ଶୁକ୍ରବାର ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ରରେ ପରିଣତ ହେବ। ପ୍ରଭାବରେ ଆଜି ଓ ଆସନ୍ତାକାଲି ଉପକୂଳ ସମେତ ଆଭ୍ୟନ୍ତରୀଣ ଓଡ଼ିଶାରେ ଦୁଇ ଦିନ ପ୍ରବଳ ବର୍ଷା ସମ୍ଭାବନା ।

ସେହିପରି ୨୦ ତାରିଖରେ ପଶ୍ଚିମ ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଅତିପ୍ରବଳ ବର୍ଷା ପାଇଁ ୧୭ ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଜିଲ୍ଲା ଗୁଡିକ ହେଲା ଢେଙ୍କାନାଳ, ସୁନ୍ଦରଗଡ, ଦେଓଗଡ଼, ଝାରସୁଗୁଡା, ସମ୍ବଲପୁର, ଅନୁଗୁଳ, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କେନ୍ଦୁଝର, ମୟୁରଭଂଜ, ବାଲେଶ୍ଵର, ଭଦ୍ରକ, କେନ୍ଦ୍ରାପଡା, ଯାଜପୁର, ଜଗତସିଂହପୁର ଓ କଟକ।

ସେହିଭଳି ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଆଲର୍ଟ ଜାରି ହୋଇଛି। ଜିଲ୍ଲା ଗୁଡିକ ହେଲା , ଜଗତସିଂହପୁର, କଟକ, କେନ୍ଦ୍ରାପଡା, ଭଦ୍ରକ, ଢେଙ୍କାନାଳ, ଅନୁଗୁଳ, ସମ୍ବଲପୁର, ବରଗଡ, ଦେଓଗଡ, ଝାରସୁଗୁଡା, ସୁନ୍ଦରଗଡ, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗିର, ବୌଦ୍ଧ, ସୋନପୁର ଓ ଯାଜପୁର । ୨୦ ତାରିଖରେ ନୂଆପଡ଼ା, ବଲାଙ୍ଗୀର, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ବରଗଡ଼, ସୋନପୁର ଓ କଳାହାଣ୍ଡି ଜିଲ୍ଲା ରେ ଅତିପ୍ରବଳ ବର୍ଷା ହୋଇପାରେ। ରାଜ୍ୟର ଅନ୍ୟ ଜିଲ୍ଲାଗୁଡ଼ିକରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.