ନୂଆଦିଲ୍ଲୀ୧୩।୦୭; ୟୁଟ୍ୟୁବ କ୍ରିଏଟରଙ୍କ ଏବେ ପାଇଁ ବଡ଼ ଖବର । ଏଣିକି ଚଳିବନି କପି ପେଷ୍ଟ ଭିଡିଓ । କଣ୍ଟେଣ୍ଟ ସହ ଥମ୍ୱନେଲେ ମେଳ ନଖାଇଲେ ଚ୍ୟାନେଲ ଉପରେ ହେବ କାର୍ଯ୍ୟାନୁଷ୍ଠାନ । ଆଉ ଏଆଇ ଦ୍ୱାରା ପ୍ରସ୍ତୁତ କଣ୍ଟେଣ୍ଟ କିମ୍ୱା ଫଟୋ ଭିଡିଓ ବ୍ୟବହାର କଲେ ବନ୍ଦ ହେବ ମନିଟାଇଜ୍ । ଯଦି ଆପଣ ୟୁଟ୍ୟୁବ ଭିଡିଓ କରୁଛନ୍ତି ତେବେ ଜାଣନ୍ତୁ ଏହା ବିଷୟରେ।
ଲୋକପ୍ରିୟ ଭିଡିଓ ଷ୍ଟ୍ରିମିଂ ପ୍ଲାଟଫର୍ମ ୟୁଟ୍ୟୁବ୍ ଏହାର ନିୟମାବଳୀରେ କେତେକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଆଣିବାକୁ ଯାଉଛି, ଯାହା ଆସନ୍ତା ଜୁଲାଇ ୧୫ ତାରିଖରୁ ଲାଗୁ ହେବ । ଏହି ନୂଆ ନିୟମ ଗୁଡ଼ିକ ମୁଖ୍ୟତଃ କଣ୍ଟେଣ୍ଟର ଗୁଣବତ୍ତା, ସ୍ୱଚ୍ଛତା ଏବଂ ମନିଟାଇଜେସନ୍ ପଲିସିକୁ କେନ୍ଦ୍ର କରି ପ୍ରସ୍ତୁତ କରାଯାଇଛି। ଯାହା ଉଭୟ କଣ୍ଟେଣ୍ଟ କ୍ରିଏଟର୍ ଓ ଦର୍ଶକଙ୍କୁ ପ୍ରଭାବିତ କରିବ । ନିୟମ ଅନୁଯାୟୀ, ୟୁଟ୍ୟୁବ୍ ବର୍ତ୍ତମାନ କପି କରାଯାଇଥିବା ଏବଂ ବାରମ୍ବାର ପୋଷ୍ଟ ହେଉଥିବା ବିଷୟବସ୍ତୁ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବ । ଯେଉଁ ଚ୍ୟାନେଲଗୁଡ଼ିକ ଅନ୍ୟ କ୍ରିଏଟରଙ୍କ ଭିଡିଓକୁ ବିନା ଅନୁମତିରେ ବା ବିନା କୌଣସି ମୌଳିକ ପରିବର୍ତ୍ତନରେ ଅପଲୋଡ୍ କରୁଛନ୍ତି, ସେହି ଭିଡିଓଗୁଡ଼ିକ ଆଉ ମନିଟାଇଜ୍ ହେବ ନାହିଁ । ଏହା ସହିତ, ୟୁଟ୍ୟୁବ୍ "ଥମ୍ବନେଲ୍" ଏବଂ "ଟାଇଟଲ୍"କୁ ନେଇ ମଧ୍ୟ ନିୟମକୁ କଡ଼ାକଡ଼ି କରିଛି । ଯଦି କୌଣସି ଭିଡିଓର ଥମ୍ବନେଲ୍ କିମ୍ବା ଟାଇଟଲ୍ ଭିଡିଓର ବିଷୟବସ୍ତୁ ସହିତ ମେଳ ଖାଉ ନଥିବ, ତେବେ ତାହାକୁ ନିୟମ ଉଲ୍ଲଂଘନ ବୋଲି ଧରାଯିବ । ଦର୍ଶକଙ୍କୁ ଭ୍ରମିତ କରୁଥିବା ଏଭଳି କ୍ଲିକ୍ବେଟ୍ କଣ୍ଟେଣ୍ଟ ଉପରେ ୟୁଟ୍ୟୁବ୍ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବ।
ଏହିସବୁ ପରିବର୍ତ୍ତନ ବ୍ୟତୀତ, ୟୁଟ୍ୟୁବ୍ ପାର୍ଟନର ପ୍ରୋଗ୍ରାମ ରେ ମଧ୍ୟ କିଛିଟା କୋହଳ କରାଯାଇଛି । ପୂର୍ବରୁ ମନିଟାଇଜେସନ୍ ପାଇଁ ୧୦୦୦ ସବସ୍କ୍ରାଇବର ଏବଂ ୪୦୦୦ ଘଣ୍ଟା ୱାଚ୍ ଟାଇମ୍ ଆବଶ୍ୟକ ଥିବାବେଳେ, ବର୍ତ୍ତମାନ ଏହାକୁ କମ୍ କରାଯାଇ ୫୦୦ ସବସ୍କ୍ରାଇବର ଏବଂ ୩୦୦୦ ଘଣ୍ଟା ୱାଚ୍ ଟାଇମ୍ କରାଯାଇଛି । ଏହା ନୂଆ କ୍ରିଏଟରମାନଙ୍କୁ ଶୀଘ୍ର ରୋଜଗାର କରିବା ପାଇଁ ସୁଯୋଗ ଦେବ । ଏହି ନୂଆ ନିୟମଗୁଡ଼ିକ ୟୁଟ୍ୟୁବ୍ ଇକୋସିଷ୍ଟମରେ ଏକ ବଡ଼ ପରିବର୍ତ୍ତନ ଆଣିବ ବୋଲି ଆଶା କରାଯାଉଛି । କ୍ରିଏଟରମାନଙ୍କୁ ଏହି ନୂଆ ନିୟମଗୁଡ଼ିକୁ ଭଲ ଭାବରେ ବୁଝି ସେହି ଅନୁସାରେ ନିଜର କଣ୍ଟେଣ୍ଟ ପ୍ରସ୍ତୁତ କରିବାକୁ ପଡ଼ିବ ।